ଓଡ଼ିଶାଲାଇଭ୍‌ ବ୍ୟୁରୋ

‘ଆମ ମୁଖ୍ୟମନ୍ତ୍ରୀ ଆମ କଥା’ କାର୍ଯ୍ୟକ୍ରମ ମାଧ୍ୟମରେ ନୂଆ ଖାଦ୍ୟ ସୁରକ୍ଷା ବ୍ୟବସ୍ଥାର ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ନୂଆ ଖାଦ୍ୟ ସୁରକ୍ଷା ବ୍ୟବସ୍ଥା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ‘ଆମ ମୁଖ୍ୟମନ୍ତ୍ରୀ ଆମ କଥା’ କାର୍ଯ୍ୟକ୍ରମ ମାଧ୍ୟମରେ ଭିଡିଓ କନଫରେନ୍ସିଂ ଦ୍ଵାରା ୧୦ଟି ଜିଲ୍ଲାର ଲୋକଙ୍କ ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ।

ସେ କହିଛନ୍ତି, “କେନ୍ଦ୍ରର ନୂଆ ଖାଦ୍ୟ ସୁରକ୍ଷା ଆଇନ ରାଜ୍ୟରେ ଲାଗୁ ହେଲା ପରେ ବହୁ ଗରିବ ଲୋକ ଏଥିରେ ସାମିଲ ହୋଇପାରି ନାହାନ୍ତି। ଏ ନେଇ କେନ୍ଦ୍ର ସରକାରଙ୍କୁ ବହୁବାର ଚିଠି ଲେଖାଯାଇଛି। ମାତ୍ର କେନ୍ଦ୍ର ସରକାର ଏ ଦିଗରେ କୌଣସି ପଦକ୍ଷେପ ନ ନେବାରୁ ଓଡିଶା ସରକାର ନୂଆ ଖାଦ୍ୟ ସୁରକ୍ଷା ବ୍ୟବସ୍ଥା ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛନ୍ତି।  ଆସନ୍ତା ଅକ୍ଟୋବର ୨, ଗାନ୍ଧୀ ଜୟନ୍ତୀରୁ ସାରା ରାଜ୍ୟରେ ଏହା କାର୍ଯ୍ୟକାରୀ ହେବ।”

ସାରା ରାଜ୍ୟର ସବୁ ଗରିବ ଲୋକ ଖାଦ୍ୟ ସୁରକ୍ଷା ସୁବିଧା ପାଇପାରିବେ। ଜଣେ ବି ଗରିବ ଲୋକଙ୍କୁ ଖାଦ୍ୟ ସୁରକ୍ଷାରୁ ବଞ୍ଚିତ ହେବାକୁ ମୁଁ ଦେବି ନାହିଁ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି।

“ଓଡ଼ିଶା ସରକାର ସବୁବେଳେ ଖାଦ୍ୟ ସୁରକ୍ଷା ଉପରେ ଜୋର ଦେଇ ଆସିଛନ୍ତି। ୨୦୦୮ରୁ ଗରିବ ଲୋକଙ୍କୁ ୨ ଟଙ୍କାରେ ଚାଉଳ ଯୋଗାଇ ଦିଆଯାଉଛି। ଏହି ଯୋଜନାର ସଫଳତାକୁ ଅନୁଭବ କରି ୨୦୧୩ରେ ୧ ଟଙ୍କାରେ ଗରିବ ଲୋକଙ୍କୁ ଚାଉଳ ଯୋଗାଇବା ପାଇଁ ନିଷ୍ପତ୍ତି ନିଆଯାଇଥିଲା। ଖାଦ୍ୟ ସୁରକ୍ଷା କ୍ଷେତ୍ରରେ ଏହା ଏକ ବଡ଼ ପଦକ୍ଷେପ”, କହିଛନ୍ତି ମୁଖ୍ୟମନ୍ତ୍ରୀ।

୨୦୧୪ରେ ନିର୍ବାଚନ ବେଳେ ସରକାର ପ୍ରତିଶ୍ରୁତି ଦେଇଥିଲେ ଯେ ନିଜର ଖାଦ୍ୟ ସୁରକ୍ଷା ବ୍ୟବସ୍ଥା କାର୍ଯ୍ୟକାରୀ କରିବେ। ଏବେ ତାହା କାର୍ଯ୍ୟକାରୀ ହେବାକୁ ଯାଉଛି। ଏହି ବ୍ୟବସ୍ଥା ଜରିଆରେ ୩୪, ୪୪,୦୦୦ ଗରିବ ଲୋକ ଖାଦ୍ୟ ସୁରକ୍ଷାର ସୁବିଧା ପାଇବେ।

Comment