ଓଡ଼ିଶାଲାଇଭ୍‌ ବ୍ୟୁରୋ

ଘୂର୍ଣ୍ଣିବଳୟ ଓ ଲଘୁଚାପ ପ୍ରଭାବରେ ଆସନ୍ତା ଦୁଇ ଦିନ ମଧ୍ୟରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷାର ସମ୍ଭାବନା ରହିଛି। ରାଜ୍ୟର ୪ଟି ଜିଲାରେ ଅତି ପ୍ରବଳ ଓ ଅନ୍ୟ ୧୨ଟି ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା।

ବାଂଲାଦେଶ ଏବଂ ଏହାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗରେ ଆସନ୍ତା ୨୪ଘଣ୍ଟାରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏବେ ଦକ୍ଷିଣ ଓଡ଼ିଶା, ଏହାର ଆଖପାଖ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଦକ୍ଷିଣକୁ ମୁହାଁଉଛି।

ଏହାର ପ୍ରଭାବରେ ରାଜ୍ୟର ୧୨ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା। ସେଗୁଡ଼ିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଝାରସୁଗୁଡ଼ା, କଟକ, ସମ୍ବଲପୁର, ସୁନ୍ଦରଗଡ଼ ଓ ପୁରୀ। ଏହି ୧୨ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଭାରତୀୟ ପାଣିପାଗ ବିଭାଗ ସତର୍କ ସୂଚନା ଦେଇଛି।

ରାଜ୍ୟର ୪ଟି ଜିଲାରେ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବାବେଳେ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀ ସମୁଦ୍ରକୁ ନଯିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରିଦିଆଯାଇଛି।

ପାଣିପାଗ ବିଭାଗ ଆକଳନ ଅନୁସାରେ ଆସନ୍ତା ୨୪ରୁ ୩୬ଘଣ୍ଟା ଭିତରେ ଲଘୁଚାପ ସୃଷ୍ଟି ହେବା ସହିତ ଏହା ମୌସୁମିକୁ ସକ୍ରିୟ କରିବ। ଲଘୁଚାପ ଓ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ଘଣ୍ଟା ସମୁଦ୍ର ଅଶାନ୍ତ ରହିବ। ଉପକୂଳ ଅଞ୍ଚଳରେ ଘଣ୍ଟାକୁ ୪୫ରୁ ୫୫କିମି ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀ ସମୁଦ୍ରକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି।

Comment