ଓଡ଼ିଶାଲାଇଭ୍‌ ବ୍ୟୁରୋ

  • ରବିବାର ସକାଳ ୧୦ଟା୩୦ରେ ଆକାଶବାଣୀର ସମସ୍ତ କେନ୍ଦ୍ରରୁ ପ୍ରସାରଣ
  • ଶିଶୁ ସ୍ୱାସ୍ଥ୍ୟ, ନିରନ୍ତର ଶିକ୍ଷା ଏବଂ ସୁରକ୍ଷା ବିଷୟରେ ଚର୍ଚ୍ଚା
  • କୋଭିଡ୍‌ ଯୋଦ୍ଧାଙ୍କ କାହାଣୀ
  • ୟୁନିସେଫ୍‌ ସହଯୋଗିତାରେ ଓଡ଼ିଶାଲାଇଭ୍‌ ଓ ସ୍ୱାସ୍ଥ୍ୟ ପ୍ଲସ୍‌ର ମିଡିଆ କ୍ୟାମ୍ପେନ ‘କେତେ ନୂଆ ବାଟ’
  • ଫେସ୍‌ବୁକ୍‌ ଏବଂ ୟୁଟ୍ୟୁବରେ ଏକ ସମୟରେ ପ୍ରସାରଣ

କୋଭିଡ୍‌-୧୯ ଭଳି ବିଶ୍ୱ ମହାମାରୀ ସମୟରେ ପିଲାଙ୍କ ଚିନ୍ତା। ଶିଶୁ ଏବଂ କିଶୋର କିଶୋରୀଙ୍କ ସ୍ୱାସ୍ଥ୍ୟ, ନିରନ୍ତର ଶିକ୍ଷା ଏବଂ ସୁରକ୍ଷାକୁ ନେଇ ସାରା ପୃଥିବୀରେ ଚିନ୍ତା। ଏହି ସମୟରେ ଓଡ଼ିଶା ସରକାର, ୟୁନିସେଫ୍‌ ଏବଂ ଅନ୍ୟ ଅଂଶୀଦାରମାନେ ଏ ବାବଦରେ କ’ଣ ସବୁ ପଦକ୍ଷେପ ନେଉଛନ୍ତି ତା’ର ଏକ ବ୍ୟାପକ ଚିତ୍ର ଉପସ୍ଥାପନ କରୁଛି ‘କେତେ ନୂଆ ବାଟ’। ରବିବାର ସକାଳ ୧୦ଟା୩୦ ମିନିଟରେ ଏହି ରେଡିଓ ଧାରାବାହିକ ଓଡ଼ିଶାରେ ଥିବା ସମସ୍ତ ଆକାଶବାଣୀ କେନ୍ଦ୍ରରୁ ପ୍ରସାରିତ ହେବାକୁ ଯାଉଛି।

ଆକାଶବାଣୀ ଛଡ଼ା ସ୍ୱାସ୍ଥ୍ୟ ପ୍ଲସ୍‌ ଏବଂ ଓଡ଼ିଶାଲାଇଭ୍‌ର ୟୁଟ୍ୟୁବ୍, ଫେସ୍‌ବୁକ୍‌ ଏବଂ ହେଲୋ ଭଳି ସୋସିଆଲ ମିଡିଆ ଚ୍ୟାନେଲଗୁଡ଼ିକରେ ଏହା ମଧ୍ୟ ଏକ ସମୟରେ ପ୍ରସାରଣ ହେବ।

କୋଭିଡ୍‌-୧୯ ଭଳି ଏକ ଜଟିଳ ସମୟରେ କିଛି ନୂଆ ସୂଚନା, କିଛି ସାହସ ଓ କିଛି ସକରାତ୍ମକ ବାର୍ତ୍ତା ନେଇ ପ୍ରସ୍ତୁତ ହୋଇଛି ଏହି ରେଡିଓ ଧାରାବାହିକ ‘କେତେ ନୂଆ ବାଟ’। ଏଥିରେ ରହିଛି କୋଭିଡ୍‌ ମୁକାବିଲା ସମ୍ପର୍କରେ ନୂଆ ଦିଗ ଓ ତଥ୍ୟ, ଏହି ଲଢ଼େଇରେ ଆଗଧାଡ଼ିରେ ଥିବା ପ୍ରମୁଖ ବ୍ୟକ୍ତିଙ୍କ ସହ ସାକ୍ଷାତକାର, କୋଭିଡ୍‌ ହିରୋଙ୍କ କାହାଣୀ, ସ୍ୱାସ୍ଥ୍ୟ ପରାମର୍ଶ ଓ ଆହୁରି ଅନେକ କିଛି।

‘କେତେ ନୂଆ ବାଟ’ର ୧୩ଟି ଅଧ୍ୟାୟରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଷୟ ନିଆଯାଇଛି। ତା’ ମଧ୍ୟରେ ରହିଛି ଲକ୍‌ଡାଉନ୍‌ ସମୟରେ ପିଲାଙ୍କ ଭଲମନ୍ଦର କଥା, ଶିକ୍ଷା, ସ୍ୱାସ୍ଥ୍ୟ, ଯୁବପିଢ଼ି ଓ ଭେଦଭାବ ଭଳି ସାମାଜିକ ପ୍ରସଙ୍ଗ। ଏହିସବୁ ବିଷୟ ଉପରେ ବିଶେଷଜ୍ଞମାନଙ୍କ ମତ ଉପସ୍ଥାପନ କରାଯାଇ ଏକ ବ୍ୟାପକ ସଚେତନତା ପାଇଁ ଉଦ୍ୟମ କରାଯାଉଛି ବୋଲି ପ୍ରଯୋଜନା ସଂସ୍ଥା ପକ୍ଷରୁ ସୂଚନା ମିଳିଛି।

‘କେତେ ନୂଆ ବାଟ’ କାର୍ଯ୍ୟକ୍ରମ ଆକାଶବାଣୀ କଟକ, ସମ୍ବଲପୁର ଏବଂ ଜୟପୁର ଭଳି ମୁଖ୍ୟ ଷ୍ଟେସନ ତଥା ରାଜ୍ୟର ବିଭିନ୍ନ ସ୍ଥାନରେ ଥିବା ଅଳ୍ପ କ୍ଷମତା ସମ୍ପନ୍ନ କେନ୍ଦ୍ରରୁ ପ୍ରତି ରବିବାର ସକାଳ ସାଢ଼େ ୧୦ଟାରେ ପ୍ରସାରିତ ହେବ।

ଓଡ଼ିଶାଲାଇଭ୍‌ର ମୁଖ୍ୟ ସମ୍ପାଦକ ନୀଳାମ୍ବର ରଥ ଏହି କାର୍ଯ୍ୟକ୍ରମର ପ୍ରଯୋଜକ ଓ ନିର୍ଦ୍ଦେଶକ ଅଛନ୍ତି। ସେହିପରି ନଳିନୀକାନ୍ତ ବିଶ୍ୱାଳ ଏହାର ଉପସ୍ଥାପନା କରୁଥିବା ବେଳେ ସହ ଉପସ୍ଥାପିକା ଅଛନ୍ତି ସୁଜାତା ପଟ୍ଟନାୟକ।

ମେ’ ୩୧ରୁ ଏହି ଅଡିଓ ସିରିଜର ପ୍ରସାରଣ ଆରମ୍ଭ ହୋଇଛି। ଅଗଷ୍ଟ ୨୩ ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ପ୍ରତି ରବିବାର ସକାଳ ୧୦ଟା୩୦ ମିନିଟରେ ପ୍ରସାରିତ ହେବ।

LEAVE A REPLY

Please enter your comment!
Please enter your name here