ଓଡିଶାଲାଇଭ୍ ବ୍ୟୁରୋ
ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ରାଜ୍ୟର ୧୭ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏନେଇ ଗୁରୁବାର ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି।
କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, ବରଗଡ଼, ଝାରସୁଗୁଡ଼ା, ସମ୍ଵଲପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଭଦ୍ରକ ଓ ଯାଜପୁର ଆଦି ୧୭ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକରେ ଆସନ୍ତା ୨୪ ଘଣ୍ଟା ଭିତରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।
ଦକ୍ଷିଣ ଉପକୂଳ ଓଡ଼ିଶା ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହି ଘୂର୍ଣ୍ଣିବଳୟ ଏବେ ଦକ୍ଷିଣ-ପଶ୍ଚିମ ଦିଗକୁ ବିସ୍ତାରିତ ହୋଇଛି। ଏଥିସହ ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ଏହାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଆଉ ଏକ ଘୂର୍ଣ୍ଣିବଳୟ ଆଜି ଦୁର୍ବଳ ହୋଇପଡ଼ିଛି। ଏହାର ପ୍ରଭାବରେ ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।