ଓଡ଼ିଶାଲାଇଭ୍ ବ୍ୟୁରୋ

ପଶ୍ଚିମ କେନ୍ଦ୍ରୀୟ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୃର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। କେତେକ ସ୍ଥାନରେ ଘଡ଼ଘଡ଼ି ସହ ମଧ୍ୟ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏଥିପାଇଁ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ୍ ୱାର୍ଣ୍ଣିଂ ଓ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ପାଣିପାଗ ବିଭାଗର ସୂଚନା ମୁତାବକ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ବିଶେଷକରି ଗଞ୍ଜାମ, ପୁରୀ, କନ୍ଧମାଳ ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି। ଏହି ସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି କୋରାପୁଟ, ଖୋର୍ଦ୍ଧା, ବୌଦ୍ଧ, ନୟାଗଡ଼, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ସମ୍ବଲପୁର, କଳାହାଣ୍ଡି ଓ ଭଦ୍ରକ ଜିଲ୍ଲାରେ ବର୍ଷା ହୋଇପାରେ।

ତା’ସହିତ କଳାହାଣ୍ଡି, ବଲାଙ୍ଗିର, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, କଟକ, ଖୋର୍ଦ୍ଧା, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜରେ ଘଡ଼ଘଡ଼ ସହ ବର୍ଷା ହୋଇପାରେ। ଏହି ସବୁ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଏହାବାଦ୍ ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାକୁ ପାଣିପାଗ ବିଭାଗ ଅରେଞ୍ଜ ୱାର୍ଣ୍ଣିଂ ଓ ୟେଲୋ ୱାର୍ଣ୍ଣିଂ ଜାରି କରିଛି।

Comment