ଓଡ଼ିଶାଲାଇଭ୍ ବ୍ୟୁରୋ

ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଅବପାତର ରୂପ ନେଇସାରିଛି।। ଏହାର ପ୍ରଭାବରେ ଆଜିଠୁ ରାଜ୍ୟରେ ବର୍ଷା ଲାଗିରହିବ। ଏନେଇ ଆଜି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି।
ଆଜି ଗଞ୍ଜାମ ଓ ପୁରୀ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ତା ସହିତ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ, ଜଗତସିଂହପୁର, ବରଗଡ଼, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାର କିଛି ଅଞ୍ଚଳରେ ମଧ୍ୟ ବର୍ଷା ହେବ। ଏହି ସବୁ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି।
ସେହିପରି ୧୨ ଓ ୧୩ ତାରିଖରେ ମଧ୍ୟ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହେବ। ଏଥିପାଇଁ ଗଜପତି, ଗଞ୍ଜାମ, ପୁରୀ, ରାୟଗଡ଼ା ଓ କୋରାପୁଟକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ମାଲକାନଗିରି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଏହି ଦିନମାନଙ୍କରେ ପବନର ବେଗ ୪୫ରୁ ୫୫ କିଲୋମିଟର ପ୍ରତି ଘଣ୍ଟା ରହିବ। ସେହି କାରଣରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଯିବାକୁ ମନା କରାଯାଇଛି।


















