ଓଡ଼ିଶାଲାଇଭ୍ ବ୍ୟୁରୋ

ଅକ୍ଟୋବର ୧୯ ତାରିଖରୁ ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାକୁ ଯାଉଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ କେନ୍ଦ୍ର।

ମିଳିଥିବା ସୂଚନା ମୁତାବକ ଲଘୁଚାପର ପ୍ରଭାବରେ ଆଜିଠୁ ବର୍ଷା ଆରମ୍ଭ ହୋଇଯିବ। ଯାହାକି ୨୧ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ଏହି ସମୟରେ ପବନର ବେଗ ପାଖାପାଖି ୪୦ରୁ ୫୦ କିଲୋମିଟର ପ୍ରତି ଘଣ୍ଟା ରହିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି। ଆଜି ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ମାଲକାନଗିରି, କୋରାପୁଟ, ରାୟଗଡ଼, କନ୍ଧମାଳ ଓ ଢେଙ୍କାନାଳ ଜିଲ୍ଲାର କିଛି ଅଞ୍ଚଳରେ ବର୍ଷା ହେବ। ସେଥିପାଇଁ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ୧୯, ୨୦ ଓ ୨୧ ତାରିଖରେ ମଧ୍ୟ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏଥିପାଇଁ ପାଣିପାଗ ବିଭାଗ ବିଭିନ୍ନ ଜିଲ୍ଲାମାନଙ୍କୁ ୟେଲୋ ଓ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛନ୍ତି।

Comment