ଓଡ଼ିଶାଲାଇଭ୍ ବ୍ୟୁରୋ

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତରପୂର୍ବ ଦିଗରେ ଗତି କରିବ। ଏହାପରେ ଲଘୁଚାପଟି ଅବପାତରେ ପରିଣତ ହେବ। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ଲାଗିରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ଲଘୁଚାପର ପ୍ରଭାବରେ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବ। ଏହି ସମୟରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହିତ ସମୁଦ୍ର ମଧ୍ୟ ଅଶାନ୍ତ ରହିବ।

ଲଘୁଚାପ ପ୍ରଭାବରେ ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏହାସହ ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାର କିଛି ଅଞ୍ଚଳରେ ହାଲକାରୁ ମଧ୍ୟ ଧରଣର ବର୍ଷା ହେବ। ସେଥିପାଇଁ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ୨୨ ଓ ୨୩ ତାରିଖରେ ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱରରେ ପ୍ରବଳ ବର୍ଷା ହେବ। ଏହିସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ବିଭିନ୍ନ ସ୍ଥାନରେ ବର୍ଷା ପାଣି ଜମିବା ସହିତ ପାହାଡ଼ ଅଞ୍ଚଳରେ ମାଟି ଧସିପାରେ। କିଛି ସ୍ଥାନରେ କଚାଘର ଭାଙ୍ଗିବାର ମଧ୍ୟ ଆଶଙ୍କା କରାଯାଇଛି।

Comment