ଓଡ଼ିଶାଲାଇଭ୍ ବ୍ୟୁରୋ

ରାସନକାର୍ଡ ଆବେଦନଠାରୁ ଆରମ୍ଭ କରି ଧାନ ସଂଗ୍ରହ ପଞ୍ଜୀକରଣ ପର୍ଯ୍ୟନ୍ତ ଏଣିକି ସବୁ କାମ ଅନଲାଇନରେ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହାକୁ ଶୁଭାରମ୍ଭ କରିଛନ୍ତି।

“ସମସ୍ତଙ୍କ ପାଇଁ ଖାଦ୍ୟ ସୁରକ୍ଷା –  ଜଣେ ବି ଗରିବ ଲୋକକୁ ମୁଁ ଖାଦ୍ୟ ସୁରକ୍ଷାରୁ ବଞ୍ଚିତ ହେବାକୁ ଦେବି ନାହିଁ” । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏହି ବିଚାରଧାରାକୁ କାର୍ଯ୍ୟରେ ପରିଣତ କରି ରାଜ୍ୟ ସରକାରଙ୍କ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଧାନ ସଂଗ୍ରହ ପଞ୍ଜୀକରଣଠାରୁ ଆରମ୍ଭ କରି ରାସନ କାର୍ଡ ଆବେଦନ ପର୍ଯ୍ୟନ୍ତ ସବୁ କାର୍ଯ୍ୟ ପାଇଁ ଅନ୍‌ଲାଇନ ବ୍ୟବସ୍ଥା ଆରମ୍ଭ କରିଛି। ଲୋକମାନେ ଏବେ ଘରେ ବସି ସବୁ ସୁବିଧା ପାଇପାରିବେ। ଗୁରୁବାର ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ଏହି କାର୍ଯ୍ୟର ଶୁଭାରମ୍ଭ କରିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, “ରାଜ୍ୟ ସରକାର ଲୋକଙ୍କ ଖାଦ୍ୟ ସୁରକ୍ଷା ପାଇଁ ପ୍ରତିଶୃତିବଦ୍ଧ। ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନା ସହିତ ରାଜ୍ୟ ସରକାର ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ଏନଏଫଏସଏରୁ ବାଦ୍‌ ପଡିଥିବା ୨୫ ଲକ୍ଷ ଲୋକଙ୍କୁ ସାମିଲ କରିଛନ୍ତି।  ସାରା ରାଜ୍ୟରେ ସାଢେ ତିନି କୋଟିରୁ ଅଧିକ ଲୋକ ଖାଦ୍ୟ ସୁରକ୍ଷାରେ ସାମିଲ ହୋଇଛନ୍ତି।”ସାରା ରାଜ୍ୟର ଲୋକ ଏହି ବିଭାଗ ସହିତ ସିଧାସଳଖ ଯୋଡି ହୋଇ ରହିଛନ୍ତି। ତେଣୁ ସାଧାରଣ ଲୋକ ପରିବର୍ତ୍ତନର ସୁଫଳ ଯେପରି ଠିକ୍‌ ଭାବରେ ପାଇପାରିବ, ସେଥିପାଇଁ ଅନଲାଇନ ବ୍ୟବସ୍ଥା ସଂପର୍କରେ ବ୍ୟାପକ ସଚେତନତା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରିଛନ୍ତି। ମାସକ ମଧ୍ୟରେ କେତେ ଲୋକ ଏହି ଅନ୍‌ଲାଇନ ସୁବିଧାର ବ୍ୟବହାର କଲେ, ସେ ସଂପର୍କରେ ଜଣାଇବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି।

ଏହି ଅବସରରେ ଖାଦ୍ୟ ସୁରକ୍ଷା ଦିଗରେ ଗତ ୨୦ ବର୍ଷ ମଧ୍ୟରେ ଓଡିଶାରେ ଯେଉଁ ବ୍ୟାପକ ପରିବର୍ତ୍ତନ ଆସିଛି, ସେ ସଂପର୍କିତ ସମସ୍ତ ତଥ୍ୟ ସମ୍ବଳିତ ଏକ ପୁସ୍ତକକୁ ମୁଖ୍ୟମନ୍ତ୍ରୀ ଉନ୍ମୋଚିତ କରିଛନ୍ତି।

ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ୪ଟି ସେବା ପାଇଁ ଅନ୍‌ଲାଇନ ବ୍ୟବସ୍ଥା ଆରମ୍ଭ କରାଯାଇଛି। ଏଗୁଡିକ ହେଲା – ଧାନ ବିକ୍ରୟ ପାଇଁ ଚାଷୀମାନଙ୍କ ପଞ୍ଜୀକରଣ, ରେସନ କାର୍ଡ ପାଇଁ ଆବେଦନ ଓ ସଂଶୋଧନ ଇତ୍ୟାଦି, ସୁଲଭ ମୂଲ୍ୟ ଦୋକାନ ପାଇଁ ଲାଇସେନ୍‌ସ ଫି ପ୍ରଦାନ ଏବଂ ସୁଲଭ ମୂଲ୍ୟ ଦୋକାନମାନଙ୍କ ଦ୍ୱାରା ଖାଦ୍ୟଶସ୍ୟର ମୂଲ୍ୟ ପ୍ରଦାନ। ଏସବୁ ସୁବିଧା ଗୁଡିକ www.foododisha.inରେ ସିଟିଜେନ୍ ସର୍ଭିସ ଲିଙ୍କରେ ମିଳିପାରିବ।

ଏହି ଅବସରରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କହିଛନ୍ତି ଯେ, ୫ଟି କାର୍ଯ୍ୟକ୍ରମ ଅଧୀନରେ ବ୍ୟାପକ ପରିବର୍ତ୍ତନ ଆଣିବା ପାଇଁ ବିଭାଗ ପ୍ରତିଶୃତିବଦ୍ଧ ହୋଇ କାର୍ଯ୍ୟ କରୁଛି। ଆଜିର ଏହି ଅନ୍‌ଲାଇନ ସେବା ଏ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ।

ଏହି କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର ସୁରେଶ ମହାପାତ୍ର, କୃଷି ଉତ୍ପାଦନ କମିଶନର ଆର୍‌.କେ. ଶର୍ମା, କୃଷି ବିଭାଗ ପ୍ରମୁଖ ସଚିବ ସୌରଭ ଗର୍ଗ, ଅର୍ଥ ବିଭାଗର ପ୍ରମୁଖ ସଚିବ ଏ.କେ ମୀନା ଏବଂ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ପ୍ରମୁଖ ଉପସ୍ଥିତ ଥିଲେ।

Comment