ଓଡ଼ିଶାଲାଇଭ୍ ବ୍ୟୁରୋ

ପୁରୀ ଶ୍ରୀମନ୍ଦିର ଆଇନ ଢାଞ୍ଚାରେ ମହାପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିର ପାଇଁ ଖୁବଶୀଘ୍ର ଏକ ସ୍ୱତନ୍ତ୍ର ଆଇନ ପ୍ରଣୟନ କରାଯିବ। ବୁଧବାର ଅପରାହ୍ଣରେ ଏକାମ୍ର କ୍ଷେତ୍ରର ବିକାଶ ପ୍ରକଳ୍ପ ବୁଲି ଦେଖିବା ସହ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି।

ନବୀନ ପଟ୍ଟନାୟକ ବୁଧବାର ଅପରାହ୍ଣରେ ଏକାମ୍ର କ୍ଷେତ୍ରର ବିକାଶ ପ୍ରକଳ୍ପ ବୁଲି ଦେଖିବା ପାଇଁ ଲିଙ୍ଗରାଜ ମନ୍ଦିରକୁ ଯାଇଥିଲେ। ସେଠାରେ ସେ ସିଂହଦ୍ୱାରରୁ ରହି ମହାପ୍ରଭୁଙ୍କୁ ପ୍ରଣାମ ଜଣାଇବା ସହ ସେବାୟତମାନଙ୍କ ସହିତ ଆଲୋଚନା କରିଥିଲେ। ଏଥିସହିତ ବର୍ତ୍ତମାନ ସରକାର ଅମଳରେ ବିନ୍ଦୁସାଗରଠାରୁ ଆରମ୍ଭ କରି ପୁରୁଣା ଭୁବନେଶ୍ୱର ଅଞ୍ଚଳର ବିକାଶ କାର୍ଯ୍ୟ ହୋଇଥିବାରୁ ସେବାୟତମାନେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ନିକଟରେ କୃତଜ୍ଞତା ଜ୍ଞାପନ କରିଥିଲେ।ଏହାପରେ ମୁଖ୍ୟମନ୍ତ୍ରୀ ଦେବୀ ପାଦହରା ପୁଷ୍କରଣୀ ବୁଲି ଦେଖିବା ସହ ବିନ୍ଦୁସାଗର ମଠଘାଟଠାରେ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଛନ୍ତି। ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତିରେ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିବା ସହିତ ଅଧିକ ପର୍ଯ୍ୟଟକଙ୍କୁ ସେଠାକୁ ଆକର୍ଷିତ କରିବାରେ ଏହି ଯୋଜନା ଏକ ସଫଳ ଉଦ୍ୟମ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀଙ୍କ ୫-ଟି କାର୍ଯ୍ୟକ୍ରମ ଅଧୀନରେ ଏହି ପ୍ରକଳ୍ପ କାର୍ଯ୍ୟ ଚାଲୁ ରହିଛି । ଐତିହ୍ୟ ନଗରୀ ଭୁବନେଶ୍ୱରର ଗରିମାକୁ ଆହୁରି ବୃଦ୍ଧି କରିବା ସହିତ ଏହାକୁ ଏକ ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ ଭାବରେ ବିକଶିତ କରିବା ଏବଂ ଭକ୍ତ ଓ ପର୍ଯ୍ୟଟକ ମାନଙ୍କ ପାଇଁ ଏକ ଅନନ୍ୟ ଆଧ୍ୟାତ୍ମିକ ଅନୁଭବ ପ୍ରଦାନ କରିବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ।ମୁଖ୍ୟମନ୍ତ୍ରୀଙ୍କ ପରିଦର୍ଶନ ସମୟରେ ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବିଧାୟକ ଅନନ୍ତ ନାରାୟଣ ଜେନା, ବିଧାୟକ ସୁଶାନ୍ତ ରାଉତ, ଉନ୍ନୟନ କମିସନର ସୁରେଶ ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ, ପୋଲିସ କମିସନର ସୁଧାଂଶୁ ଷଡଙ୍ଗୀ, ପୂର୍ତ୍ତ ସଚିବ କିଷନ କୁମାର, ବି.ଏମ୍‌.ସି କମିସନର ପ୍ରେମଚାନ୍ଦ ଚୌଉଧାରୀ ଏବଂ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।

Comment