ଓଡ଼ିଶାଲାଇଭ୍ ବ୍ୟୁରୋ

ଚାଷୀଙ୍କ ଆକାଉଣ୍ଟକୁ ଗଲା ‘କାଳିଆ ଟଙ୍କା’। ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫୩ ଲକ୍ଷରୁ ଅଧିକ ଚାଷୀଙ୍କୁ ୨୦୦୦ ଟଙ୍କା ଲେଖାଏଁ କାଳିଆ ସହାୟତା ପ୍ରଦାନ କରିଛନ୍ତି। ସମୁଦାୟ ୧୨୭୨ କୋଟିରୁ ଅଧିକ ଟଙ୍କା ପ୍ରଦାନ କରାଯାଇଛି। ଏହି ଟଙ୍କା ଚାଷୀମାନଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ ପ୍ରଦାନ କରାଯାଇଛି।

କ୍ଷୁଦ୍ର, ନାମମାତ୍ର ଓ ଭୂମିହୀନ ଚାଷୀ ମାନଙ୍କୁ କୃଷି ଓ ଆନୁଷାଙ୍ଗିକ କାର୍ଯ୍ୟରେ ସହାୟତା କରିବା ପାଇଁ ୨୦୧୯ ମସିହାରେ କାଳିଆ ଯୋଜନା ଆରମ୍ଭ ହୋଇଥିଲା। ଏହି ଯୋଜନା ଆଜି ଜାତୀୟ ସ୍ତରରେ ଏକ ଆଦର୍ଶ ଯୋଜନା ହୋଇପାରିଛି। ବିଶ୍ଵବ୍ୟାଙ୍କ ତଥ୍ୟ ଅନୁଯାୟୀ କାଳିଆ ଯୋଜନା କାର୍ଯ୍ୟକାରୀ ହେବା ପରେ ପୂର୍ବ ବର୍ଷ ଅପେକ୍ଷା ଚାଷୀମାନଙ୍କ ଋଣ ଭାର ଅପେକ୍ଷାକୃତ କମିପାରିଛି।ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମୁଁ ଚାହେଁ, ମୋ ରାଜ୍ୟର ଚାଷୀ ତାର ଉତ୍ପାଦିତ ଜିନିଷର ଉଚିତ୍‌ ମୂଲ୍ୟ ପାଉ। ଚାଷୀର ରୋଜଗାର ବଢୁ। ତାର ଜୀବନଧାରଣ ମାନରେ ଉନ୍ନତି ଆସୁ। ମୋ ରାଜ୍ୟର ଚାଷୀ ସମ୍ମାନର ସହ ବଞ୍ଚୁ।

କୃଷି ଆମ ଅର୍ଥନୀତିର ମୁଖ୍ୟ ଶକ୍ତି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, କରୋନା ସମୟରେ ଅର୍ଥନୀତିର ସବୁ କ୍ଷେତ୍ର ଗୁରୁତର ଭାବେ ପ୍ରଭାବିତ ହୋଇଥିଲା। କିନ୍ତୁ, ଆମର ଚାଷୀଭାଇମାନଙ୍କ ସାହସ ଓ ପରିଶ୍ରମ କୃଷି କ୍ଷେତ୍ରରେ ଉନ୍ନତି ଆଣିଛି। ଚାଷୀଭାଇ ସଂଜୀବନୀ ପରି ଦେଶର ଅର୍ଥନୀତିକୁ ରକ୍ଷା କରିପାରିଛି। ତେଣୁ ମୁଁ ଚାଷୀର ତ୍ୟାଗ ଏବଂ ତାର ପରିଶ୍ରମକୁ ପ୍ରଣାମ କରୁଛି।

ଏହି ଅବସରରେ କାଳିଆ ଯୋଜନା ସଂପର୍କରେ ଏକ କ୍ଷୁଦ୍ର ଭିଡିଓ ଚିତ୍ର ପ୍ରଦର୍ଶିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ମୁଖ୍ୟଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, କୃଷି ଉତ୍ପାଦନ କମିସନର ଆର୍‌.କେ. ଶର୍ମା ଓ ବିଭିନ୍ନ ବିଭାଗର ପ୍ରମୁଖ ସଚିବମାନେ ଉପସ୍ଥିତ ଥିଲେ। ୫-ଟି ସଚିବ ଭି.କେ ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲା ବେଳେ କୃଷି ବିଭାଗର ପ୍ରମୁଖ ସଚିବ ସୌରଭ ଗର୍ଗ ସ୍ଵାଗତ ଭାଷଣ ଦେଇଥିଲେ ଏବଂ ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ।

Comment