ଓଡ଼ିଶାଲାଇଭ୍‌ ବ୍ୟୁରୋ

ପଣା ସଂକ୍ରାନ୍ତି ବା ମହାବିଷୁବ ସଂକ୍ରାନ୍ତିକୁ ଓଡ଼ିଆ ନବ ବର୍ଷ  ଭାବରେ ପାଳନ କରାଯାଏ। ଏହି ଦିନଠାରୁ ବସନ୍ତ ଋତୁର ଶେଷ ଓ ଗ୍ରୀଷ୍ମର ଆରମ୍ଭ ହୋଇଥାଏ। ଏହି ଦିନ ଏକ ଛୋଟ ମାଠିଆରେ ପଣା ରଖି ଚଉଁରା ମୂଳରେ ବାନ୍ଧି ଦିଆଯାଏ।

ମାଠିଆରେ ଥିବା ଛୋଟ କଣାରୁ ଧିରେ ଧିରେ ପାଣି ଝରେ ଯାହା ବର୍ଷାକୁ ସୂଚାଇଥାଏ ଏହି ଠେକିକୁ ବସୁନ୍ଧରା ଠେକି କହାଯାଏ। ଠାକୁରାଣୀ ମନ୍ଦିରମାନଙ୍କରେ ଏହି ଦିନ ଝାମୁ ଯାତ ପାଳନ କରାଯାଏ। ଏହି ଅବସରରେ   କଟକର ଚଣ୍ଡୀ ମନ୍ଦିର, ଯାଜପୁରର ବିରଜା ମନ୍ଦିର, ସମ୍ବଲପୁରର ସମଲେଶ୍ୱରୀ ମନ୍ଦିର, ଗଞ୍ଜାମର ତାରାତାରିଣୀ  ମନ୍ଦିରରେ ଅଧିକ ଭକ୍ତଙ୍କ ଭିଡ଼ ହୋଇଥାଏ।

ଉତ୍ତର  ଓଡ଼ିଶାରେ ଏହାକୁ ଚଡ଼କ ପର୍ବ ବୋଲି ମଧ୍ୟ କୁହାଯାଇଥାଏ।  ଦକ୍ଷିଣ ଓଡ଼ିଶାରେ ପଣା ସଂକ୍ରାନ୍ତି  ସମୟରେ  ଦଣ୍ଡନାଟ ଉତ୍ସବ ଅନୁଷ୍ଠିତ ହୋଇଥାଏ।

ମହାବିଷୁବ ସଂକ୍ରାନ୍ତି ହିଁ ବର୍ଷର ପ୍ରଥମ ସଂକ୍ରାନ୍ତି ଭାବରେ ଗ୍ରହଣ କରାଯାଏ। ଓଡ଼ିଆ ପରିବାରରେ ଦେବଦେବୀଙ୍କଠାରେ ସ୍ୱତନ୍ତ୍ର ପୂଜା, ଭୋଗ, ହୋମ ଆଦି କରାଯାଇଥାଏ। ଏହି ଦିନର ଆଉ ଏକ ବିଶେଷତ୍ୱ ହେଉଛି ଏହି ଦିନ ପ୍ରଭୁ ହନୁମାନ ଜନ୍ମ ହୋଇଥିଲେ। ତେଣୁ ଏହି ଦିନକୁ ହନୁମାନ ଜୟନ୍ତୀ ଭାବେ ମଧ୍ୟ ପାଳନ କରାଯାଏ।

ଏହି ଦିନ ପଡ଼ିଶା, ବନ୍ଧୁବାନ୍ଧବ ଓ ବ୍ରାହ୍ମଣମାନଙ୍କୁ ପଣା ଦିଆଯାଏ। ତେଣୁ ଏହି ଦିନକୁ ପଣାସଂକ୍ରାନ୍ତି ବୋଲି ମଧ୍ୟ କହାଯାଏ। ଏହି ସଂକ୍ରାନ୍ତି ପରଠାରୁ ବୃକ୍ଷଜଗତ ଏବଂ ଜୀବଜଗତକୁ ଜଳ ପ୍ରଦାନ କରାଯାଉଥିବାରୁ ଏହି ସଂକ୍ରାନ୍ତିର ଅନ୍ୟ ନାମ ଜଳସଂକ୍ରାନ୍ତି ବୋଲି କହିଥାନ୍ତି।

Comment