ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜ୍ୟରେ କୋଭିଡ୍‌ର ଦ୍ୱିତୀୟ ଲହର ସଂକ୍ରମଣ ଉଦ୍‌ବେଗଜନକ ସ୍ଥିତିରେ ପହଞ୍ଚିଲାଣି। ସୂଚନା ଓ ଲୋକସମ୍ପର୍କ ବିଭାଗର ତଥ୍ୟ ଅନୁସାରେ ବୁଧବାର ରାଜ୍ୟରୁ ୮ହଜାରରୁ ଅଧିକ ନୂଆ ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ, ଗୋଟିଏ ଦିନ ବ୍ୟବଧାନରେ ଆଜି ପୁଣିଥରେ ୮୬୮୧ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରର ୪୯୪୮ ଜଣ ହୋଇଥିବାବେଳେ, ୩୭୩୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି।

ଆଜିର ତଥ୍ୟ ଅନୁସାରେ ସର୍ବାଧିକ ୧୪୦୮ ନୂଆ ପଜିଟିଭ୍ ଖୋର୍ଦ୍ଧା ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି। ସେହିପରି କଟକରୁ ୫୭୦, ସୁନ୍ଦରଗଡ଼ରୁ ୭୪୫, ଝାରସୁଗୁଡ଼ାରୁ ୪୧୧, ନବରଙ୍ଗପୁରରୁ ୩୬୮, ବଲାଙ୍ଗୀରରୁ ୪୫୯, ବରଗଡ଼ରୁ ୪୨୩, ଅନୁଗୁଳରୁ ୪୧୯ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହିଭଳି ଭାବରେ ସବୁ ଜିଲ୍ଲାରେ ପଜିଟିଭ୍ ସଂଖ୍ୟା କ୍ରମାଗତ ବଢ଼ିବାରେ ଲାଗିଛି।

ରାଜ୍ୟରେ ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କୁ ମିଶାଇ ସମୁଦାୟ ପଜିଟିଭ୍ ସଂଖ୍ୟା ୪ଲକ୍ଷ ୪୪ହଜାର ୧୯୪ରେ ପହଞ୍ଚିଛି। ଗତ ୨୪ଘଣ୍ଟାରେ ସୁସ୍ଥ ହୋଇଥିବା ୪୬୭୯ ଜଣଙ୍କୁ ମିଶାଇ ସମୁଦାୟ ୩ଲକ୍ଷ ୮୦ହଜାର ୪୦୦ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏଯାବତ୍ ୬୧ହଜାର ୬୯୮ ଟି ଆକ୍ଟିଭ କେସ୍ ରହିଛି।

ଅନ୍ୟପଟେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ମୂତାବକ ଆଜି ରାଜ୍ୟରେ ୧୪ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି। ସେମାନଙ୍କ ମଧ୍ୟରେ ଭୁବନେଶ୍ୱରରୁ ୨ଜଣ, ଗଞ୍ଜାମରୁ ଜଣେ, କଳାହାଣ୍ଡିରୁ ଜଣେ, କୋରାପୁଟରୁ ତିନି ଜଣ, ନବରଙ୍ଗପୁରରୁ ଜଣେ, ରାୟଗଡ଼ାରୁ ଦୁଇ ଜଣ, ସମ୍ବଲପୁରରୁ ଜଣେ, ସୁନ୍ଦରଗଡ଼ରୁ ୩ଜଣ ରହିଛନ୍ତି। ଏମାନେ ସମସ୍ତେ କରୋନାରେ ଆକ୍ରାନ୍ତ ହୋଇ ଭିନ୍ନ ଭିନ୍ନ ହସ୍ପିଟାଲରେ ଚିକିତ୍ସା ହେଉଥିଲେ। ଏହି ମୃତକମାନଙ୍କୁ ମିଶାଇ ରାଜ୍ୟରେ ସମୁଦାୟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୦୪୩ ରେ ପହଞ୍ଚିଛି।

Comment