ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜ୍ୟରେ କୋଭିଡ୍‌ର ଦ୍ୱିତୀୟ ଲହର ସଂକ୍ରମଣ କମିବାରେ ନାଁ ଧରୁନାହିଁ। ପ୍ରତିଦିନ ପୁଳା ପୁଳା କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ସେପଟେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ପ୍ରଥମ ଓ ଦ୍ୱିତୀୟ ଲହର କରୋନା ସଂକ୍ରମଣରେ ଆଜି ପ୍ରଥମଥର ପାଇଁ ରାଜ୍ୟରୁ ୧୦ହଜାରରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକସମ୍ପର୍କ ବିଭାଗର ତଥ୍ୟ ଅନୁସାରେ ଆଜି ରାଜ୍ୟରୁ ୧୦ ହଜାର ୪୧୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରର ୫୮୮୭ ଜଣ ହୋଇଥିବାବେଳେ, ୪୫୨୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି।

ଆଜିର ତଥ୍ୟ ଅନୁସାରେ ସର୍ବାଧିକ ୧୭୯୬ ନୂଆ ପଜିଟିଭ୍ ଖୋର୍ଦ୍ଧା ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି। ସେହିପରି କଟକରୁ ୮୨୮, ସୁନ୍ଦରଗଡ଼ରୁ ୧୧୦୦, ଝାରସୁଗୁଡ଼ାରୁ ୪୪୨, ନବରଙ୍ଗପୁରରୁ ୩୭୮, ବଲାଙ୍ଗୀରରୁ ୧୬୦, ବରଗଡ଼ରୁ ୫୧୧, ଅନୁଗୁଳରୁ ୩୯୨ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହିଭଳି ଭାବରେ ସବୁ ଜିଲ୍ଲାରେ ପଜିଟିଭ୍ ସଂଖ୍ୟା କ୍ରମାଗତ ବଢ଼ିବାରେ ଲାଗିଛି।

ରାଜ୍ୟରେ ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କୁ ମିଶାଇ ସମୁଦାୟ ପଜିଟିଭ୍ ସଂଖ୍ୟା ୪ଲକ୍ଷ ୫୪ହଜାର ୬୦୭ରେ ପହଞ୍ଚିଛି। ଗତ ୨୪ଘଣ୍ଟାରେ ସୁସ୍ଥ ହୋଇଥିବା ୫୦୧୪ ଜଣଙ୍କୁ ମିଶାଇ ସମୁଦାୟ ୩ଲକ୍ଷ ୮୫ହଜାର ୪୧୪ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏଯାବତ୍ ୬୭ହଜାର ୦୮୬ ଟି ଆକ୍ଟିଭ କେସ୍ ରହିଛି।

ଅନ୍ୟପଟେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ମୂତାବକ ଆଜି ରାଜ୍ୟରେ ୧୧ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି। ସେମାନଙ୍କ ମଧ୍ୟରେ ଭୁବନେଶ୍ୱରରୁ ୪ଜଣ, ବୌଦ୍ଧରୁ ଜଣେ, କଳାହାଣ୍ଡିରୁ ଜଣେ, କୋରାପୁଟରୁ ଜଣେ, ପୁରୀରୁ ଜଣେ, ସୁନ୍ଦରଗଡ଼ରୁ ଦୁଇ ଜଣ, ରାୟଗଡ଼ାରୁ ଜଣେ ରହିଛନ୍ତି। ଏମାନେ ସମସ୍ତେ କରୋନାରେ ଆକ୍ରାନ୍ତ ହୋଇ ଭିନ୍ନ ଭିନ୍ନ ହସ୍ପିଟାଲରେ ଚିକିତ୍ସା ହେଉଥିଲେ। ଏହି ମୃତକମାନଙ୍କୁ ମିଶାଇ ରାଜ୍ୟରେ ସମୁଦାୟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୦୫୪ ରେ ପହଞ୍ଚିଛି।

Comment