ଓଡ଼ିଶାଲାଇଭ୍ ବ୍ୟୁରୋ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ରାଜ୍ୟର ଆର୍ଥିକ ଓ ସାମାଜିକ ଦୁର୍ବଳ ଶ୍ରେଣୀର ଲୋକମାନଙ୍କ ପାଇଁ ୧୬୯୦ କୋଟି ୪୬ ଲକ୍ଷ ଟଙ୍କାର କୋଭିଡ ସହାୟତା ପ୍ୟାକେଜ୍ ଘୋଷଣା କରିଛନ୍ତି। ଏହାଦ୍ଵାରା ରାଜ୍ୟର ଭୂମିହୀନ ଚାଷୀ, ନିର୍ମାଣ ଶ୍ରମିକ, ସହରାଞ୍ଚଳର ଗରିବ ଲୋକ, ଆଦିମ ଜନଜାତି, ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀ, ଏନ୍‌.ଆର.ଇ.ଜି.ଏ ଶ୍ରମିକ, ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ଆଦି ସମସ୍ତେ ଉପକୃତ ହେବେ।

ଏହି ସହାୟତା ପ୍ୟାକେଜ୍ ଅନୁଯାୟୀ କାଳିଆ ଯୋଜନାରେ ହିତାଧିକାରୀ ଥିବା ରାଜ୍ୟର ୧୭ ଲକ୍ଷ ୮୩ ହଜାର ଭୂମିହୀନ ଚାଷୀ ପରିବାରଙ୍କୁ ପ୍ରତି ହିତାଧିକାରୀ ପିଛା ୧୦୦୦ ଟଙ୍କାର ସ୍ଵତନ୍ତ୍ର ସହାୟତା ଦିଆଯିବ। କାଳିଆ ଯୋଜନାରେ ସବୁ ଭୂମିହୀନ ଚାଷୀ ପରିବାରକୁ ମଧ୍ୟ ୩ଟି କିସ୍ତିରେ ମୋଟ୍ ୨୦୭ କୋଟି ଟଙ୍କା ସହାୟତା ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।ସେହିପରି କୋଭିଡଜନିତ ଲକ୍‌ଡାଉନ୍ ସମୟରେ ସହରାଞ୍ଚାଳରେ ରହୁଥିବା ଗରିବ ଲୋକମାନଙ୍କୁ ରୋଜଗାର ଯୋଗାଇବା ପାଇଁ ରାଜ୍ୟ ସରକାର ମୁକ୍ତା ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଏହି ଯୋଜନାରେ ରାଜ୍ୟର ୧୧୪ଟି ପୌରସଂସ୍ଥାମାନଙ୍କରେ ରହୁଥିବା ଗରିବ ଲୋକଙ୍କୁ ଡିସେମ୍ବର ୨୦୨୧ ପର୍ଯ୍ୟନ୍ତ ରୋଜଗାର ଦେବା ପାଇଁ ୨୬୦ କୋଟି ଟଙ୍କାର କାମ ଯୋଗାଇ ଦିଆଯିବ।

ଏନ୍‌.ଆର.ଇ.ଜି.ଏ ଯୋଜନାରେ କାମ କରୁଥିବା ଶ୍ରମିକମାନଙ୍କୁ ସେମାନଙ୍କର ଦୈନିକ ମଜୁରୀ ବ୍ୟତୀତ ପ୍ରତିଦିନ ଅଧିକ ୫୦ ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ସହାୟତା ଭାବରେ ଦିଆଯିବ ବୋଲି ଘୋଷଣା ହୋଇଛି। ଏପ୍ରିଲ ୨୧ରୁ ଜୁନ୍‌ ୨୧ ମଧ୍ୟରେ ଏହି ବର୍ଦ୍ଧିତ ମଜୁରୀ ବାବଦକୁ ରାଜ୍ୟ ସରକାର ୩୦୦ କୋଟି ଟଙ୍କା ବହନ କରିବେ।ସେହିପରି ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ହିତାଧିକାରୀମାନଙ୍କୁ ଜୁଲାଇରୁ ନଭେମ୍ବର ୨୧ ପର୍ଯ୍ୟନ୍ତ ପ୍ରତି ବ୍ୟକ୍ତିଙ୍କୁ ୫ କେଜି ଲେଖାଏଁ ଚାଉଳ ମାଗଣାରେ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏଥିପାଇଁ ୯୨.୮୬ କୋଟି ଟଙ୍କା ଖର୍ଚ୍ଚ କରାଯିବ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କୋଭିଡ ମହାମାରୀ ଦ୍ଵାରା ସମାଜର ସବୁ ବର୍ଗର ଲୋକଙ୍କର ଆର୍ଥିକ ଅବସ୍ଥା ପ୍ରଭାବିତ ହୋଇଛି। କିନ୍ତୁ ସାମାଜିକ ତଥା ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଶ୍ରେଣୀର ଲୋକମାନେ ବିଶେଷ ଭାବରେ କ୍ଷତିଗ୍ରସ୍ତ ହୋଇଛନ୍ତି। ଗତବର୍ଷ କୋଭିଡର ପ୍ରଥମ ଲହର ସମୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଥିବା ବିଭିନ୍ନ ସହାୟତା ସମାଜର ବିଭିନ୍ନ ବର୍ଗର ଲୋକଙ୍କୁ ମହାମାରୀ ପ୍ରଭାବରୁ ବହୁ ପରିମାଣରେ ଆଶ୍ଵସ୍ତି ଦେଇଥିଲା।“କୋଭିଡର ଦ୍ଵିତୀୟ ଲହର ଯୋଗୁଁ ଗତ ଦୁଇ ମାସ ହେଲା ରାଜ୍ୟର ବିଭିନ୍ନ ଅଞ୍ଚଳରେ ପର୍ଯ୍ୟାୟକ୍ରମେ ଲକ୍‌ଡାଉନ୍ ଜାରି ରହିଛି। ଗରିବ ତଥା ଶ୍ରମିକ ଶ୍ରେଣୀର ଲୋକମାନଙ୍କ ଆର୍ଥିକ ସ୍ଥିତିକୁ ଦୁର୍ବଳ କରିଛି ଲକ୍‌ଡାଉନ୍। ଏହାକୁ ବିଚାର କରି ସେମାନଙ୍କ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସହାୟତା ପ୍ୟାକେଜ ଘୋଷଣା କରାଯାଇଛି”, କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

Comment