ଓଡ଼ିଶାଲାଇଭ୍ ବ୍ୟୁରୋ

ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଏକ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ସହ ଜଡ଼ିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ମଧ୍ୟଭାଗ ଯାଏଁ ବ୍ୟାପିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।

ଲଘୁଚାପ ପ୍ରଭାବରେ ଆଜି ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦ୍ରାପଡା ଓ ଯାଜପୁର ଜିଲ୍ଲାରେ ବର୍ଷା ହେବ। ସେହିଭଳି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ ଓ କନ୍ଧମାଳ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ଆଗୁଆ ସତର୍କ ସୂଚନା ଜାରି କରାଯାଇଛି। ୩୦ତାରିଖ ଦିନ ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ନିକଟବର୍ତ୍ତୀ ଉତ୍ତର ଓଡ଼ିଶାର ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।

ସେପଟେ ଉପରମୁଣ୍ଡରେ ବର୍ଷା ଯୋଗୁ ବୁଢାବଳଙ୍ଗ ଏବଂ ସୁବର୍ଣ୍ଣରେଖା ନଦୀର ଜଳସ୍ତର ବଢିବା ଆଶଙ୍କା କରାଯାଇଛି। ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀମାନଙ୍କୁ ଦୁଇ ଦିନ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

ବାତ୍ୟା ‘ଗୁଲାବ’ ଯିବା ପରେ ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ତତସଂଲଗ୍ନ ଉପକୂଳ ଅଞ୍ଚଳରେ ସୃଷ୍ଟ ଲଘୁଚାପ ଘନୀଭୂତ ହୋଇଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ୧ ତାରିଖ ଯାଏଁ ବର୍ଷା ଲାଗି ରହିବ।

Comment