ଓଡ଼ିଶାଲାଇଭ୍ ବ୍ୟୁରୋ

ଆଉ ୬ ଜଣ ଦୁର୍ନୀତିଗ୍ରସ୍ତ ଏବଂ ଅପାରଗ ସରକାରୀ ଅଧିକାରୀଙ୍କୁ ବୁଧବାର ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର। ଏହି ଅଧିକାରୀମାନଙ୍କ ମଧ୍ୟରେ ୩ ଜଣ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ, ପୋଲିସ ଇନ୍ସପେକ୍ଟର, ଅତିରିକ୍ତ ଯୋଗାଣ ଅଧିକାରୀ ଓ ଜିଲ୍ଲା କଲ୍ୟାଣ ଅଧିକାରୀ ରହିଛନ୍ତି। ବର୍ତ୍ତମାନ ସୁଦ୍ଧା ୧୫୮ ଜଣ ସରକାରୀ ବାବୁଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିସାରିଛନ୍ତି ରାଜ୍ୟ ସରକାର।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ଵ ଦେଇଆସିଛନ୍ତି। ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ସବୁବେଳେ ଦୃଢ଼ କାର୍ଯ୍ୟାନୁଷ୍ଠାନ ମଧ୍ୟ ଗ୍ରହଣ କରୁଛନ୍ତି। ଏହି ଆଭିମୁଖ୍ୟ ଅନୁଯାୟୀ ଆଜି ଆଉ ୬ ଜଣ ସରକାରୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ବାଧ୍ୟତାମୂଳକ ଅବସର ଦିଆଯାଇଥିବା ୩ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ହେଲେ ସରୋଜ କୁମାର ଦାସ, ଦୟାନିଧି ସାମଲ ଏବଂ କରୁଣାକର ଘଡାଇ। ସେହିପରି ଅନୁଗୁଳ ଜିଲ୍ଲା ପୋଲିସ ଇନ୍ସପେକ୍ଟର ରତ୍ନାକର ମଲ୍ଲିକଙ୍କୁ ଅପାରଗତା କାରଣରୁ ସେବାରୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ଏହା ସହ ନୂଆପଡ଼ା ଜିଲ୍ଲାର ଅତିରିକ୍ତ ଯୋଗାଣ ଅଧିକାରୀ ରତ୍ନାକର ସେଠୀ ଓ ଅନୁଗୁଳ ଜିଲ୍ଲାର ପୂର୍ବତନ କଲ୍ୟାଣ ଅଧିକାରୀ ଚାରୁଲତା ମଲ୍ଲିକଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର। ଏହି ଦୁଇ ସରକାରୀ ଅଧିକାରୀଙ୍କ ବିରୋଧରେ ଦୁର୍ନୀତି ମାମଲା ରହିଛି।

Tag: #GovtOfficer #CorruptedOfficials #GovtOfOdisha #CMNaveenPatnaik

Comment