ଓଡ଼ିଶାଲାଇଭ୍ ବ୍ୟୁରୋ

ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଓ୍ଵେଲ ମାର୍କଡ ଲୋ ପ୍ରେସରରେ ପରିଣତ ହୋଇଛି। ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ଶନିବାର ସକାଳେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗର ଅଞ୍ଚଳରେ ସକ୍ରିୟ ରହିଛି।

ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରିବା ସହ ପରବର୍ତ୍ତୀ ୧୨ ଘଣ୍ଟା ମଧ୍ୟରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଅବପାତର ରୂପ ନେବାର ସମ୍ଭାବନା ରହିଛି। ଅବପାତରେ ପରିଣତ ହେବା ପରେ ସାମ୍ଭାବ୍ୟ ବାତ୍ୟାର ଗତିପଥ ସୃଷ୍ଟି ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଏହା ଆସନ୍ତା ୧୦ ତାରିଖ ସୁଦ୍ଧା ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହେବାର ସମ୍ଭାବନା ରହିଛି। ଆଜି ଏହା ଅବପାତରେ ପରିଣତ ହେବା ପରେ ବାତ୍ୟାର ଚିତ୍ର ସ୍ପଷ୍ଟ ହୋଇଯିବ। ବାତ୍ୟା କେଉଁ ଉପକୂଳ ଛୁଇଁବ? କେବେ ଛୁଇଁବ? ସେନେଇ ଆକଳନ କରାଯାଇପାରିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।

ଆସନ୍ତା ୯ ତାରିଖରୁ ସମୁଦ୍ର ଅଶାନ୍ତ ରହିବ। ଏହି କାରଣରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି। ଅନ୍ୟ ପକ୍ଷରେ ଯେଉଁ ମତ୍ସ୍ୟଜୀବୀମାନେ ସମୁଦ୍ର ଭିତରେ ରହିଛନ୍ତି ସେମାନଙ୍କୁ ଫେରିଆସିବାକୁ ନିର୍ଦ୍ଦେଶ ଦିଆଯାଇଛି। ବାତ୍ୟାକୁ ନେଇ ଭୟଭୀତ ନ ହୋଇ ସତର୍କ ରହିବା ଲାଗି ରାଜ୍ୟବାସୀଙ୍କୁ ପରାମର୍ଶ ଦିଆଯାଇଛି।

Tags: #Weather #Cyclone #AndamanSea #BayOfBengal

Comment