ଓଡ଼ିଶାଲାଇଭ୍ ବ୍ୟୁରୋ

ବାତ୍ୟା ସ୍ଥଳଭାଗ ଛୁଇଁବ ନାହିଁ। କିନ୍ତୁ ଅତି ନିକଟରେ ଗତି କରିବ। ତେଣୁ ଏହାର ପ୍ରଭାବରେ ଓଡ଼ିଶା ଉପକୂଳବର୍ତ୍ତୀ ଅଞ୍ଚଳରେ ପ୍ରବଳ ବର୍ଷା ଓ ପବନ ବହିବାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ବିଭିନ୍ନ ଜିଲ୍ଲାକୁ ସରକାର ସତର୍କ ସୂଚନା ଜାରି କରିଛନ୍ତି। ସମ୍ବେଦନଶୀଳ ଜିଲ୍ଲାଗୁଡ଼ିକରେ ପ୍ରଭାବିତ ହେବାର ସମ୍ଭାବନା ରହିଥିବା ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବାକୁ ସ୍ଵତନ୍ତ୍ର ରିଲିଫ କମିଶନର ପ୍ରଦୀପ କୁମାର ଜେନା ସମ୍ପୃକ୍ତ ଜିଲ୍ଲାଗୁଡ଼ିକର ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଆସନ୍ତା ମେ’ ୧୦ ତାରିଖରେ ଗଞ୍ଜାମ, ଗଜପତି ଏବଂ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୧୧ ତାରିଖରେ ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ ଏବଂ ଜଗତସିଂହପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ରହିଛି। ସେହିପରି ୧୨ ତାରିଖରେ ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଭଦ୍ରକ ଏବଂ ବାଲେଶ୍ଵରରେ ବାତ୍ୟା ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।

ଗଞ୍ଜାମ ଜିଲ୍ଲାର ରଙ୍ଗେଇଲୁଣ୍ଡା, ଚିକିଟି ଏବଂ ଛତ୍ରପୁର, ପୁରୀ ଜିଲ୍ଲାର କୃଷ୍ଣପ୍ରସାଦ, ବ୍ରହ୍ମଗିରି, ପୁରୀ ସଦର, ଗୋପ, କାକଟପୁର ଏବଂ ଅସ୍ତରଙ୍ଗ ସହ ଜଗତସିଂହପୁର ଜିଲ୍ଲାର ବାଲିକୁଦା, ଏରସମା, କୁଜଙ୍ଗ ଏବଂ କେନ୍ଦ୍ରପଡ଼ା ଜିଲ୍ଲାର ମହାକାଳପଡ଼ା ଏବଂ ରାଜନଗର ବ୍ଲକର ତଳିଆ ଅଞ୍ଚଳର ମାଟି ଘର ଓ କୁଡ଼ିଆରେ ରହୁଥିବା ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରିବାକୁ ସ୍ଵତନ୍ତ୍ର ରିଲିଫ କମିଶନର ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

Tags: #Cyclone #Weather #RainFall #HeavyRainFall #Odisha

Comment