ଓଡ଼ିଶାଲାଇଭ୍ ବ୍ୟୁରୋ

ବାତ୍ୟା ‘ଅସାନି’ ପ୍ରଭାବରେ ରାଜ୍ୟର କିଛି ଜିଲ୍ଲାରେ ବର୍ଷା ଆରମ୍ଭ ହୋଇଛି। ଆଗକୁ ଆହୁରି ବର୍ଷିବ। ମଙ୍ଗଳବାରଠାରୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ରାଜ୍ୟର ୭ଟି ଉପକୂଳ ଜିଲ୍ଲାରେ ୩ ଦିନ ପର୍ଯ୍ୟନ୍ତ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଗଞ୍ଜାମ, ଗଜପତି ଏବଂ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ଏହି ସମୟ ମଧ୍ୟରେ ପବନର ବେଗ ଘଣ୍ଟା ପ୍ରତି ୫୦ କିଲୋମିଟର ରହିବ ବୋଲି ପୂର୍ବାନୁମାନ କରାଯାଇଛି।

ଆସନ୍ତା ୧୧ ତାରିଖରେ ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ ଏବଂ ଜଗତସିଂହପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ସତର୍କ କରିଛି ପାଣିପାଗ ବିଭାଗ। ଆସନ୍ତା ୧୨ ତାରିଖରେ ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଭଦ୍ରକ ଏବଂ ବାଲେଶ୍ଵର ଜିଲ୍ଲାରେ ବର୍ଷା ହେବ ବୋଲି ଆକଳନ କରାଯାଇଛି। ମେ’ ୧୨ ତାରିଖରେ ପାରାଦୀପ ନିକଟରେ ବାତ୍ୟା ଦୁର୍ବଳ ହୋଇ ଅତିକ୍ରମ କରିବ ବୋଲି ପାଣିପାଗ ବିଭାଗ କହିଛି।

ପାଣିପାଗ ବିଭାଗର ସୂଚନା ଅନୁସାରେ ବାତ୍ୟା ‘ଅସାନି’ ଦକ୍ଷିଣ, ଦକ୍ଷିଣ-ପଶ୍ଚିମ ଦିଗରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଛି। ପୁରୀଠାରୁ ୫୭୦ କିଲୋମିଟର ଦୂରରେ ଏବଂ ଗୋପାଳପୁରଠାରୁ ଦକ୍ଷିଣ, ଦକ୍ଷିଣ-ପଶ୍ଚିମରେ ୪୯୦ କିଲୋମିଟର ଦୂରରେ ରହିଛି ‘ଅସାନି’। ବାତ୍ୟା ଘଣ୍ଟା ପ୍ରତି ୧୨ କିଲୋମିଟର ବେଗରେ ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗରେ ଗତିକରୁଥିବା ପାଣିପାଗ ବିଭାଗ ସୂଚନା ଦେଇଛି।

Tags: #Cyclone #Rainfall #HeavyRailfall #Odisha

Comment