ଓଡ଼ିଶାଲାଇଭ୍ ବ୍ୟୁରୋ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ ସରକାରଙ୍କ ରୂପାନ୍ତର ଶୃଙ୍ଖଳାର ଦ୍ଵିତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ପ୍ରମୁଖ ସଚିବ ଜି. ମାଥିଭାତନନ୍ ବିଭାଗର ଟ୍ରାନ୍ସଫରମେସନାଲ ଇନିସିଏଟିଭ୍ ସମ୍ପର୍କରେ ଏକ ଉପସ୍ଥାପନା ରଖିଥିଲେ।

ଏହିସବୁ କାର୍ଯ୍ୟକ୍ରମରେ ସ୍ଥାନୀୟ ଅଞ୍ଚଳରେ ଉପଲବ୍ଧ ସାଧାରଣ ବୈଷୟିକ ଜ୍ଞାନର ପ୍ରୟୋଗ କରାଯାଇଥିବାବେଳେ ଗୋଷ୍ଠୀ ସହଭାଗିତା ଜରିଆରେ କାର୍ଯ୍ୟକାରୀ କରାଯାଇଛି। ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ଓ ଗରିବ ଲୋକଙ୍କ ସହଭାଗିତା ଲୋକଙ୍କୁ ବିକାଶ ପ୍ରକ୍ରିୟା ସହିତ ଯୋଡ଼ିବା ସହିତ ସେମାନଙ୍କର ଜୀବନଜୀବିକାରେ ଉନ୍ନତି ଆଣିପାରିଛି ଏବଂ ସମାଜରେ ସମ୍ମାନର ସହ ବଞ୍ଚିବା ପାଇଁ ପ୍ରେରଣା ଦେଇପାରିଛି। ଏ ରୂପାନ୍ତର ସମାଜର ତଳସ୍ତରରେ ବ୍ୟାପକ ପରିବର୍ତ୍ତନର ଶୁଭାରମ୍ଭ କରିଛି। କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଶଂସା କରିବା ସହ ସବୁ ବିଭାଗ ଗୋଟିଏ ଟିମ ହୋଇ କାମ କରି ସଫଳତା ଆଣିବାକୁ ପରାମର୍ଶ ଦେଇଥିଲେ।

ଏହି ଉପସ୍ଥାପନା ଅନୁଯାୟୀ ରାଜ୍ୟର ୧୬ ପ୍ରତିଶତ ଜନସାଧାରଣ ସହରାଞ୍ଚଳରେ ବସବାସ କରନ୍ତି ଏବଂ ସେଥିମଧ୍ୟରୁ ୪୦ ପ୍ରତିଶତ ଅଞ୍ଚଳରେ ପିଇବା ପାଣିର ସୁବିଧା ନଥିଲା। ୪ ଲକ୍ଷ ଘରେ ଟଏଲେଟ୍‌ର ସୁବିଧା ମଧ୍ୟ ନଥିଲା। କିନ୍ତୁ ରୂପାନ୍ତର ଉପକ୍ରମ ଆରମ୍ଭ ହେବା ପରେ ଆଜି ରାଜ୍ୟର ୮୪ ପ୍ରତିଶତ ଘରେ ଶତପ୍ରତିଶତ ପାଇପ ପାଣିର ବ୍ୟବସ୍ଥା ହୋଇପାରିଛି। ପୂର୍ବରୁ ୩ ଲକ୍ଷ ଘରକୁ ପାଇପ ପାଣିର ସୁବିଧା ଥିବାବେଳେ ବର୍ତ୍ତମାନ ୧୦ ଲକ୍ଷ ଘରକୁ ପାଇପ ପାଣିର ସୁବିଧା ଦିଆଯାଇପାରିଛି।

ପୁରୀରେ ଡ୍ରିଙ୍କ ଫ୍ରମ ଟ୍ୟାପ କାର୍ଯ୍ୟକ୍ରମ ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହେବା ପରେ ଏହା ବର୍ତ୍ତମାନ ରାଜ୍ୟର ୨୪ଟି ସହରରେ ଆରମ୍ଭ ହୋଇଛି। ଏଥିରେ ବସ୍ତି ଅଞ୍ଚଳକୁ ପ୍ରାଥମିକତା ଦିଆଯାଉଛି। ପାନୀୟ ଜଳ ଯୋଗାଣ ନୀତିରେ ଟ୍ୟାପ ଓ୍ଵାଟରକୁ ନାଗରିକମାନଙ୍କର ଏକ ଅଧିକାର ଭାବରେ ଗ୍ରହଣ କରାଯାଇଛି।

ସେହିପରି ମଳମୁତ୍ର ଓ କଠିଜ ବର୍ଜ୍ୟବସ୍ତୁ ପରିଚାଳନା କ୍ଷେତ୍ରରେ ମଧ୍ୟ ଯଥେଷ୍ଟ ଉନ୍ନତି ଆସିପାରିଛି। ବର୍ତ୍ତମାନ ରାଜ୍ୟର ୧୦୦ଟି ସହରରେ ୧୦୩ଟି ସିପେଜ ଟ୍ରିଟମେଣ୍ଟ ପ୍ଲାଣ୍ଟ ଦିନକୁ ୧,୮୦୦ କିଲୋଲିଟର ଫିକଲ ସ୍ଲଜ୍ ବିଶୋଧନ କରାଯାଉଛି। ଏଥିରେ କମ୍ ଖର୍ଚ୍ଚରେ ସାଧାରଣ ଟେକ୍ନୋଲୋଜିର ପ୍ରୟୋଗରେ ଗୋଷ୍ଠୀ ସହଭାଗୀତାରେ ବ୍ୟାପକ ପରିବର୍ତ୍ତନ ଆସିପାରିଛି।

ଜାଗାଠାରୁ ଲୋକ ଆମ ପାଇଁ ମୂଲ୍ୟବାନ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପୂର୍ବରୁ ସହରାଞ୍ଚଳର ୧୭ ଲକ୍ଷ ବସ୍ତିବାସିନ୍ଦା ଅନେକ ଅବ୍ୟବସ୍ଥା ମଧ୍ୟରେ ରହୁଥିଲେ। ଜାଗା ମିଶନରେ ୪ ବର୍ଷ ମଧ୍ୟରେ ଏବେ ୧ ଲକ୍ଷ ୭୫ ହଜାର ପରିବାରକୁ ଜମି ଅଧିକାର ଦିଆଯାଇଥିବାବେଳେ, ୫୮୫ଟି ବସ୍ତିକୁ ଆଦର୍ଶ କଲୋନୀରେ ପରିଣତ କରାଯାଇଛି। ସେହିପରି ୧୫୪୦ ବସ୍ତିକୁ ଶତ ପ୍ରତିଶତ ପାନୀୟ ଜଳ ବ୍ୟବସ୍ଥା ଦିଆଯାଇଥିବାବେଳେ ୧,୦୭୫ଟି ବସ୍ତିକୁ ବିଜୁଳି ସୁବିଧା ଦିଆଯାଇଛି। ୫୮୯ଟି ବସ୍ତିରେ ଶତ ପ୍ରତିସତ ଟଏଲେଟ୍‌ ବ୍ୟବସ୍ଥା କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଲୋକାଭିମୁଖୀ କାର୍ଯ୍ୟ ଯୋଗୁଁ ବ୍ୟାପକ ପରିବର୍ତ୍ତନ ଆସିପାରିଛି।

ସେହିପରି ମୁଖ୍ୟମନ୍ତ୍ରୀ କର୍ମତତ୍ପର ଅଭିଯାନ ‘ମୁକ୍ତା’ ଯୋଜନାରେ ରାଜ୍ୟ ବାହାରେ କାମ କରୁଥିବା ୫ ଲକ୍ଷ ଶ୍ରମିକଙ୍କୁ ଜୀବିକା ଯୋଗାଇ ଦିଆଯାଇଛି। ଏଥିରେ ଦୁଇ ହଜାର କୋଟି ଟଙ୍କା ବିନିଯୋଗରେ ୨୨,୫୦୦ଟି ପ୍ରକଳ୍ପ କରାଯାଇଛି। ୧୫ ହଜାର ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ କାମ ତଦାରଖ କରିବାକୁ ଦାୟିତ୍ଵ ଦିଆଯାଇଛି। ଗୋଷ୍ଠୀ ସହଭାଗୀତାର ଏହା ଏକ ଆଦର୍ଶ ଉଦାହରଣ।

କାର୍ଯ୍ୟକ୍ରମରେ ପ୍ରାରମ୍ଭିକ ସୂଚନା ରଖି ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କହିଥିଲେ ସହରାଞ୍ଚଳର ଏକ ନିର୍ଦ୍ଦିଷ୍ଟ ପ୍ରତିଶତ ଜନସାଧାରଣ ସହରର ମୌଳିକ ସୁବିଧା ପାଇପାରିଲେ ହିଁ ରୂପାନ୍ତରର ପ୍ରକୃତ ଲକ୍ଷ୍ୟ ସାଧିତ ହୋଇପାରିବ। ସହରାଞ୍ଚଳର ବିକାଶ ବୈଜ୍ଞାନିକ ଆଧାରରେ ହେବା ସହିତ ଅନ୍ତର୍ଭୁକ୍ତିକରଣ ଓ ସାମଗ୍ରୀକ ବିକାଶକୁ ଗୁରୁତ୍ଵ ଦେବାର ଆବଶ୍ୟକତା ରହିଛି ବୋଲି ସେ କହିଥିଲେ। ଓଡ଼ିଶାରେ ବଡ଼ ବଡ଼ କମ୍ପାନିକୁ ସହରାଞ୍ଚଳ ବିକାଶରେ ନିୟୋଜିତ କରାନଯାଇ ଗୋଷ୍ଠୀ ସହଭାଗିତାରେ କରାଯାଇଛି। ଏହା ହିଁ ଓଡ଼ିଶାର ରୂପାନ୍ତରଣର ବୈଶିଷ୍ଟ୍ୟ ବୋଲି ସେ କହିଥିଲେ।

କାର୍ଯ୍ୟକ୍ରମରେ ମନ୍ତ୍ରୀ ପଦ୍ମନାଭ ବେହେରା, ସୁଦାମ ମାର୍ଣ୍ଡି, ଅଶୋକ ପଣ୍ଡା, ତୁଷାରକାନ୍ତି ବେହେରା, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏବଂ ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ, ପ୍ରମୁଖ ସଚିବ ଓ ସଚିବମାନେ ଯୋଗ ଦେଇଥିଲେ।

Tags: #CMNaveenPatnaik #VKPandian #TransformationInitiatives

Comment