ଓଡ଼ିଶାଲାଇଭ୍ ବ୍ୟୁରୋ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନଫରେନ୍ସିଂ ଜରିଆରେ ରାଜ୍ୟସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ସମସ୍ତ ସମ୍ଭାବ୍ୟ ବିପର୍ଯ୍ୟୟ ପାଇଁ ପ୍ରସ୍ତୁତ ରହିବାକୁ ରାଜ୍ୟ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଆମର ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମର ନୀତି ହେଉଛି ‘ପ୍ରତ୍ୟେକ ଜୀବନ ମୂଲ୍ୟବାନ’। ଓଡ଼ିଶା ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ କରି ଏ କ୍ଷେତ୍ରରେ ଆଗୁଆ ରାଜ୍ୟ ହୋଇପାରିଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି।

ପ୍ରତି ବର୍ଷ ଜୁନରୁ ଅକ୍ଟୋବର ମାସ ସମୟ ଅତ୍ୟନ୍ତ ଗୁରୁପୂର୍ଣ୍ଣ। ଏହି ସମୟରେ ବନ୍ୟା, ବାତ୍ୟା ଏବଂ ମରୁଡ଼ି ଭଳି ଅନେକ ପ୍ରାକୃତିକ ବିପର୍ଯ୍ୟୟ ଆସେ। ଏହି ସମୟ ମଧ୍ୟରେ ବନ୍ୟା ଏବଂ ବାତ୍ୟା ହେବାର ସମ୍ଭାବନା ରହିଛି। ତେଣୁ ଏହାର ମୁକାବିଲା କରିବା ନିମନ୍ତେ ପ୍ରସ୍ତୁତ ରହିବା ଲାଗି ସମସ୍ତ ପ୍ରଶାସନିକ କଳକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଖାସ କରି ଛୋଟପିଲା, ଗର୍ଭବତୀ ମହିଳା, ଶାରୀରିକ ଏବଂ ମାନସିକ ଅକ୍ଷମ ବ୍ୟକ୍ତି, ବୟସ୍କ ଏବଂ ବିଧବାମାନଙ୍କ ପ୍ରତି ସ୍ଵତନ୍ତ୍ର ବ୍ୟବସ୍ଥା କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ଆଗୁଆ ବିପର୍ଯ୍ୟୟ ସୂଚନା ବ୍ୟବସ୍ଥା, ଉଦ୍ଧାର ଏବଂ ରିଲିଫ କାର୍ଯ୍ୟ, ପାନୀୟ ଜଳର ବ୍ୟବସ୍ଥା, ସ୍ଵାସ୍ଥ୍ୟ ଏବଂ ପ୍ରାଣୀସେବା ବ୍ୟବସ୍ଥା ଆଦି କରିବା ନିମନ୍ତେ ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବୈଠକରେ ପରାମର୍ଶ ଦେଇଛନ୍ତି। ବିପର୍ଯ୍ୟୟ ପ୍ରବଣ ଏବଂ ଦୁର୍ଗମ ଅଞ୍ଚଳରେ ପର୍ଯ୍ୟାପ୍ତ ପରିମାଣରେ ଖାଦ୍ୟ ପଦାର୍ଥ ମହଜୁଦ ରଖିବା, ଜିଲ୍ଲାସ୍ତରୀୟ ଜରୁରୀକାଳିନ କେନ୍ଦ୍ରଗୁଡ଼ିକୁ ୨୪ ଘଣ୍ଟିଆ କାର୍ଯ୍ୟକାରୀ କରିବା, ପଶୁ ଖାଦ୍ୟ ମହଜୁଦ ରଖିବା ଏବଂ ବିପର୍ଯ୍ୟୟ ସମୟରେ ପ୍ରାଣୀସେବା କ୍ୟାମ୍ପ ଖୋଲିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। 

ବୈଠକରେ ରାଜ୍ୟସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ରାଜ୍ୟ ସରକାର ବିପର୍ଯ୍ୟୟ ମୁକାବିଲା କ୍ଷେତ୍ରରେ ନେଇଥିବା ପଦକ୍ଷେପ ସମ୍ପର୍କରେ ସୂଚନା ଦେଇଥିଲେ। ସେ କହିଥିଲେ ଯେ, ରାଜ୍ୟରେ ୮୭୯ଟି ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳ ରହିଛି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଅର୍ଥ ବିନିଯୋଗ କରାଯାଇ ଆହୁରି ୫୫ଟି ଆଶ୍ରୟସ୍ଥଳ ନିର୍ମାଣ କରାଯାଉଛି। ରାଜ୍ୟର ବିଭିନ୍ନ ସ୍ଥାନରେ ବିଶେଷ କରି ଉପକୂଳ ଅଞ୍ଚଳଗୁଡ଼ିକରେ ବିପର୍ଯ୍ୟୟ ପ୍ରତିରୋଧି ଗୃହ ନିର୍ମାଣ କରାଯାଉଛି ବୋଲି ମନ୍ତ୍ରୀ ପ୍ରମିଳା ମଲ୍ଲିକ ସୂଚନା ଦେଇଛନ୍ତି।

Tags: #Disaster #DisasterManagement #StateLevelMeeting #CMOdisha #NaveenPatnaik

Comment