ଓଡ଼ିଶାଲାଇଭ୍ ବ୍ୟୁରୋ

ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆସନ୍ତା ୫ଦିନ ବର୍ଷା ଲାଗି ରହିବ ବୋଲି ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବର୍ଷାର ପରିମାଣ ବଢ଼ିବା ନେଇ ପୂର୍ବାନୁମାନ କରାଯାଇଛି।

ଅଗଷ୍ଟ ୯ ତାରିଖରେ ରାଜ୍ୟର ୩ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ରେଡ୍ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହି ତିନି ଜିଲ୍ଲା ହେଉଛି ଗଞ୍ଜାମ, ଗଜପତି ଓ କନ୍ଧମାଳ।

ସେହିପରି ଖୋର୍ଦ୍ଧା, ପୁରୀ, ନୟାଗଡ଼, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାରେ ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲା ଗୁଡ଼ିକ ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଅନ୍ୟପଟେ ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ ଓ ବାଲେଶ୍ଵରକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଆସନ୍ତା ୧୦ ତାରିଖରେ ମଧ୍ୟ ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିବ। ୧୧ ତାରିଖଠାରୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷାର ପରିମାଣ ସାମାନ୍ୟରୁ ମଧ୍ୟମ ରହିବ ବୋଲି ପୂର୍ବାନୁମାନ କରାଯାଇଛି। ତେବେ ୧୩ ତାରିଖ ସୁଦ୍ଧା ବର୍ଷାର ପରିମାଣ ଅନେକାଂଶରେ କମ୍ ରହିବ। ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇଥିବାବେଳେ ଦକ୍ଷିଣ ଓଡ଼ିଶାରେ ବର୍ଷାର ପରିମାଣ ଅଧିକ ଥିବା ରେକର୍ଡ କରାଯାଇଛି।

Tags: #Weather #WeatherReport #Odisha #RedWarning #OrangeWarning #HeavyRainFall

Comment