ଓଡ଼ିଶାଲାଇଭ୍ ବ୍ୟୁରୋ

ଉତ୍ତର-ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ଘନୀଭୂତ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।

ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଶନିବାର ଦିନ ପାଇଁ ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ ଓ ଢେଙ୍କାନାଳ। ସମ୍ପୃକ୍ତ ଜିଲ୍ଲାଗୁଡ଼ିକରେ ପ୍ରବାହିତ ନଦୀମାନଙ୍କରେ ଜଳସ୍ତର ବଢ଼ିବା ସହ ବନ୍ୟା ପରିସ୍ଥିତି ଉପୁଜିବାର ସମ୍ଭାବନା ରହିଛି।

ବର୍ଷା ପ୍ରଭାବରେ କଚ୍ଚା ରାସ୍ତା ଧସେଇବା ସହ କଚ୍ଚା ଘର ପ୍ରତି ବିପଦ ରହିଛି। ଏଥିପ୍ରତି ଲୋକଙ୍କୁ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ସହରାଞ୍ଚଳର ବିଭିନ୍ନ ରାସ୍ତାରେ ଥିବା ଅଣ୍ଡରପାସରେ ଜଳବନ୍ଦୀ ସମସ୍ୟା ସୃଷ୍ଟି ହେବାର ସମ୍ଭାବନା ରହିଛି।

ଏହା ସହିତ ବର୍ଷା ନେଇ ରାଜ୍ୟର ୧୫ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା ଖୋର୍ଦ୍ଧା, ନୟାଗଡ଼, ଗଜପତି, ଗଞ୍ଜାମ, ବାଲେଶ୍ଵର, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ସମ୍ବଲପୁର, ସୋନପୁର, ବରଗଡ଼, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ ଏବଂ ରାୟଗଡ଼ା। ଏହି ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ଆସନ୍ତା ୧୪ ଓ ୧୫ ତାରିଖ ପାଇଁ ୧୦ ଜିଲ୍ଲାକୁ ରେଡ୍ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ସୋନପୁର, ବୌଦ୍ଧ, ବରଗଡ଼, ଅନୁଗୁଳ, ସମ୍ବଲପୁର, ଝାରସୁଗୁଡ଼ା ଓ ଦେବଗଡ଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।

ଏହି କ୍ରମରେ ଟୁଇନସିଟି କଟକ ଓ ଭୁବନେଶ୍ଵରରେ ମଧ୍ୟ ପ୍ରବଳ ବର୍ଷା ଜାରି ରହିବ। ଏ ନେଇ ତଳୁଆ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ଦେଖା ଦେବାର ସମ୍ଭାବନା ରହିଛି। ଆବଶ୍ୟକ ନଥିଲେ ଲୋକଙ୍କୁ ବାହାରକୁ ନଯିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ।

Tags: #Weather #WeatherReport #HeavyRainFall #RedWarning #YellowWarning #MetrologyDepartment

Comment