ଓଡ଼ିଶାଲାଇଭ୍ ବ୍ୟୁରୋ

  • ପ୍ରତିଟି ଜୀବନ ଆମ ପାଇଁ ମୂଲ୍ୟବାନ: ମୁଖ୍ୟମନ୍ତ୍ରୀ 
  • ବିପଦସଙ୍କୁଳ ସ୍ଥାନଗୁଡ଼ିକରୁ ଲୋକଙ୍କୁ ସ୍ଥାନାନ୍ତର କରିବାକୁ ନିର୍ଦ୍ଦେଶ
  • ପ୍ରଭାବିତ ଅଞ୍ଚଳରେ ଶିକ୍ଷାନୁଷ୍ଠାନ ବନ୍ଦ କରିବାକୁ ପରାମର୍ଶ

“ସବୁ ପ୍ରକାର ବିପର୍ଯ୍ୟୟରେ ଆମର ନୀତି ହେଉଛି ‘ସବୁ ଜୀବନ ମୂଲ୍ୟବାନ’। ବର୍ତ୍ତମାନ ପରିସ୍ଥିତିରେ ଯେପରି କୌଣସି ଗୋଟିଏ ବି ଜୀବନ ହାନୀ ନ ହୁଏ ଏବଂ ସାଧାରଣ ଜୀବନଯାତ୍ରାରେ ଯେପରି କୌଣସି ଅସୁବିଧା ନ ହୁଏ ତାକୁ ସୁନିଶ୍ଚିତ କର”, ବିଭିନ୍ନ ବିଭାଗର ଅଧିକାରୀମାନଙ୍କୁ କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ରାଜ୍ୟରେ ଦେଖା ଦେଇଥିବା ବନ୍ୟା ପରିସ୍ଥିତି ସମ୍ପର୍କରେ ସମୀକ୍ଷା କରିବା ନିମନ୍ତେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ଵପୂର୍ଣ୍ଣ  ବୈଠକ ଅନୁଷ୍ଠିତ ହୋଇଛି। ଭିଡିଓ କନଫରେନ୍ସିଂ ଯୋଗେ ମୁଖ୍ୟମନ୍ତ୍ରୀ ଏହି ବୈଠକରେ ଯୋଗ ଦେଇ ବିଭିନ୍ନ ଅଞ୍ଚଳରେ ଉପୁଜିଥିବା ବନ୍ୟା ପରିସ୍ଥିତି ଅନୁଧ୍ୟାନ କରି ଏହାର ମୁକାବିଲା ଲାଗି ୧୦ଟି ଜିଲ୍ଲାର ଜିଲ୍ଲାପାଳ ଏବଂ ବିଭିନ୍ନ ବିଭାଗର ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ବନ୍ୟା ପରିସ୍ଥିତି ସମ୍ପର୍କରେ ମୁଖ୍ୟ ଶାସନ ସଚିବ ଓ ସ୍ଵତନ୍ତ୍ର ରିଲିଫ କମିଶନର ନିୟମିତ ଭାବେ ସମୀକ୍ଷା କରିବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ, ପ୍ରମୁଖ ସଚିବ ଓ ସଚିବ ଏବଂ ବିଭିନ୍ନ ଜିଲ୍ଲା ଜିଲ୍ଲାପାଳମାନେ ଉପସ୍ଥିତ ଥିଲେ।

ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ରମାଗତ ଭାବେ ବର୍ଷା ଲାଗି ରହିଥିବାରୁ ମହାନଦୀ ଅବବାହିକା ଅଞ୍ଚଳର ୧୦ଟି ଜିଲ୍ଲାରେ ବନ୍ୟା ହେବାର ସମ୍ଭାବନା ଦେଖାଦେଇଛି। ତେଣୁ ଏହି ୧୦ଟି ଜିଲ୍ଲାର ଜିଲ୍ଲାପାଳମାନେ ସତର୍କ ରହିବା ସହିତ ବନ୍ୟା ପରିସ୍ଥିତିକୁ ରୋକିବା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ନେବାକୁ ସେ ପରାମର୍ଶ ଦେଇଛନ୍ତି।

ବିପଦସଙ୍କୁଳ ଅଞ୍ଚଳରେ ଥିବା ଲୋକମାନଙ୍କୁ ପ୍ରାଥମିକତା ଭିତ୍ତିରେ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରି ସେମାନଙ୍କୁ ଆବଶ୍ୟକ ରିଲିଫ ଓ ମୌଳିକ ସୁବିଧା ଯୋଗାଇ ଦେବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ରାଜ୍ୟସ୍ତରରେ ସମ୍ପୃକ୍ତ ବିଭାଗମାନେ ଜିଲ୍ଲାଗୁଡ଼ିକୁ ସମସ୍ତ ପ୍ରକାର ସାହାଯ୍ୟ ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି।

ବନ୍ୟା ପରିସ୍ଥିତି ଯୋଗୁଁ ବିପଦସଙ୍କୁଳ ସ୍ଥାନଗୁଡ଼ିକରୁ ଲୋକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିବା ନିମନ୍ତେ ଏନଡିଆରଏଫ୍, ଓଡ୍ରାଫ୍ ଏବଂ ଅଗ୍ନିଶମ ବିଭାଗ ଗୁଡ଼ିକୁ ନିୟୋଜିତ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ଵ ଦେଇଛନ୍ତି।

ହସ୍ପିଟାଲ, ଜଳଯୋଗାଣ ଓ ବିଦ୍ୟୁତ ଯୋଗାଣ ବ୍ୟବସ୍ଥା ପରି ବିଭିନ୍ନ ଗୁରୁତ୍ଵପୂର୍ଣ୍ଣ ସଂସ୍ଥାଗୁଡ଼ିକ ନିରବଚ୍ଛିନ୍ନ ଭାବରେ ସେବା ଯୋଗାଇ ଦେବା, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଗ୍ରାମାଞ୍ଚଳରେ ସ୍ଵଚ୍ଛ ପାନୀୟ ଜଳର ବ୍ୟବସ୍ଥା କରିବା, ସ୍ଵାସ୍ଥ୍ୟ ବିଭାଗ ପ୍ରଭାବିତ ଅଞ୍ଚଳରେ ଲୋକଙ୍କୁ ସ୍ଵାସ୍ଥ୍ୟସେବା ଯୋଗାଇ ଦେବାପାଇଁ ସ୍ଵତନ୍ତ୍ର ବ୍ୟବସ୍ଥା କରିବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।

ସେପିପରି ପ୍ରାଣୀଧନର ସୁରକ୍ଷା ପାଇଁ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିଭାଗ ଆବଶ୍ୟକ ସେବା ଯୋଗାଇ ଦେବାକୁ ମଧ୍ୟ ପରାମର୍ଶ ଦିଆଯାଇଛି।

ବନ୍ୟା ଯୋଗୁଁ ରାସ୍ତାଘାଟର କ୍ଷତି ହୋଇ ଯଦି ଯୋଗାଯୋଗ ବ୍ୟବସ୍ଥା ବ୍ୟାହତ ହୁଏ, ତେବେ ଇଂଜିନିୟରିଂ ବିଭାଗଗୁଡ଼ିକ ତୁରନ୍ତ ରାସ୍ତାଗୁଡ଼ିକର ମରାମତି ପାଇଁ ଆଗୁଆ ବ୍ୟବସ୍ଥା କରିବା ଆବଶ୍ୟକ ବୋଲି ସେ କହିଛନ୍ତି। ସେହିପରି କୌଣସି ସ୍ଥାନରେ ଯଦି ବିଦ୍ୟୁତ୍ ଯୋଗାଣ ବ୍ୟାହତ ହୋଇଥିବ ଶକ୍ତି ବିଭାଗ ତୁରନ୍ତ ସେଠାରେ ବିଦ୍ୟୁତ୍ ଯୋଗାଣ କରିବାର ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ବୈଠକରେ ସ୍ଵତନ୍ତ୍ର ରିଲିଫ କମିଶନର ପ୍ରଦୀପ କୁମାର ଜେନା ପରିସ୍ଥିତି, ପ୍ରସ୍ତୁତି ଏବଂ ପଦକ୍ଷେପ ସମ୍ପର୍କରେ ଉପସ୍ଥାପନା ରଖି କହିଛନ୍ତି, ମହାନଦୀର ଉପର ଓ ତଳମୁଣ୍ଡରେ ବର୍ଷା ହୋଇ ୧୦ଟି ଜିଲ୍ଲାରେ ବନ୍ୟା ପରିସ୍ଥିତି ଦେଖାଦେଇଛି। ଗତକାଲି ହୀରାକୁଦର ୮ଟି ଗେଟ୍‌ ବନ୍ଦ କରାଯାଇଛି ଏବଂ ବର୍ତ୍ତମାନ ୨୬ଟି ଗେଟ୍‌ ଖୋଲା ରହିଛି। ଅବଶ୍ୟକ ନ ହେବା ପର୍ଯ୍ୟନ୍ତ  ଆଗାମୀ ୩ ଦିନ ପର୍ଯ୍ୟନ୍ତ ଏହି ବ୍ୟବସ୍ଥା ଜାରି ରହିବ। ଏହାଦ୍ଵାରା ହୀରାକୁଦର ତଳ ମୁଣ୍ଡରେ ବନ୍ୟା ପରିସ୍ଥିତିର ପ୍ରଭାବ ସାମାନ୍ୟ କମିଛି। ୭ଟି ଜିଲ୍ଲାରେ ୯ଟି ଓଡ୍ରାଫ, ୬ଟି ଜିଲ୍ଲାରେ ୯ଟି ଏନଡିଆରଏଫ୍ ଟିମ୍‌ ଏବଂ ୪୪ଟି ଅଗ୍ନିଶମ ସେବା ୟୁନିଟ୍‌କୁ ସଜାଗ ରଖାଯାଇଛି। ଆଜି ମହାନଦୀର ମୁଣ୍ଡଳୀଠାରେ ୧୧.୭୫ ଲକ୍ଷ କ୍ୟୁସେକ ଜଳ ପ୍ରବାହିତ ହେବ ବୋଲି ସେ କହିଛନ୍ତି।

ବନ୍ୟା ପରିସ୍ଥିତିର ମୁକାବିଲା ଲାଗି ସବୁ ଜିଲ୍ଲାର ପ୍ରଶାସନକୁ ହାଇ ଆଲର୍ଟରେ ରଖାଯାଇଛି। ୧୦ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ଆବଶ୍ୟକ ହେଲେ ସ୍ଥାନାନ୍ତର ପାଇଁ ନିର୍ଦ୍ଦେଶ ଦିଆଯିବା ସହ ଏଥିପାଇଁ ଦରକାର ପଡ଼ିଲେ ପଞ୍ଚାୟତରାଜ ଅନୁଷ୍ଠାନ ଗୁଡ଼ିକର ସହାୟତା ନେବାକୁ ପରାମର୍ଶ ଦିଆଯାଇଛି। ଏହାସହିତ ନଦୀବନ୍ଧଗୁଡ଼ିକ ଉପରେ ନଜର ରଖିବା ଏବଂ ପ୍ରଭାବିତ ଅଞ୍ଚଳରେ ଆବଶ୍ୟସ୍ଥଳେ ଶିକ୍ଷାନୁଷ୍ଠାନଗୁଡ଼ିକୁ ବନ୍ଦ ରଖିବା ପାଇଁ ମଧ୍ୟ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

୫-ଟି ସଚିବ ଭି କେ ପାଣ୍ଡିଆନ ସମ୍ବଲପୁର, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଏବଂ ସିଏମସି କମିଶନରଙ୍କ ସହିତ ପରିସ୍ଥିତି ସମ୍ପର୍କରେ ଆଲୋଚନା କରିଥିଲେ। ବର୍ତ୍ତମାନ ସୁଦ୍ଧା ପରିସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣାଧୀନ ରହିଛି ଏବଂ ଜିଲ୍ଲା ପ୍ରଶାସନ ସମ୍ପୂର୍ଣ୍ଣ ଭାବରେ ସଜାଗ ରହି ପରିସ୍ଥିତି ଉପରେ ନଜର ରଖିଛି। କେତେକ ସ୍ଥାନରେ ଲୋକଙ୍କୁ ସ୍ଥାନାନ୍ତର କରାଯାଉଛି ବୋଲି ଜିଲ୍ଲାପାଳମାନେ ସୂଚନା ଦେଇଛନ୍ତି।

ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ, ପ୍ରମୁଖ ସଚିବ ଓ ସଚିବ ଏବଂ ଜିଲ୍ଲାପାଳମାନେ ଉପସ୍ଥିତ ଥିଲେ।

Tags: #CMNaveenPatnaik #FloodSituation #FloodSituationInOdisha #ReviewMeeting

Comment