ଓଡ଼ିଶାଲାଇଭ୍ ବ୍ୟୁରୋ

ଉତ୍ତର-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଥିବା ସକ୍ରିୟ ଘୂର୍ଣ୍ଣିବଳୟ ଆଜି ଉତ୍ତର ବଙ୍ଗୋପସାଗର ଏବଂ ତା’ର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି। ଏହା ସମୁଦ୍ର ପତ୍ତନଠାରୁ ବାୟୁମଣ୍ଡଳର ୫.୮ କିମି ଉଚ୍ଚତା ଯାଏଁ ବ୍ୟାପିଛି। ଏହା ପ୍ରଭାବରେ ଉପକୂଳ ଓଡ଼ିଶାରେ ଝିପିଝିପି ବର୍ଷା ଲାଗି ରହିଛି। ରାଜଧାନୀ ଭୁବନେଶ୍ଵରରେ ଘୂର୍ଣ୍ଣିବଳୟ ପ୍ରଭାବରେ ପାହାନ୍ତା ସମୟରୁ ବର୍ଷା ଲାଗି ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

ପାରାଦ୍ଵୀପ ରାଡାରରୁ ମିଳିଥିବା ତଥ୍ୟ ଅନୁଯାୟୀ ଜଗତସିଂହପୁର, କେନ୍ଦ୍ରାପଡ଼ା ସମେତ କଟକ ଏବଂ ଖୋର୍ଦ୍ଧା ଜିଲ୍ଲାରେ ବର୍ଷା ଜାରି ରହିଥିବାବେଳେ ଆଉ କିଛି ଉପକୂଳ ଅଞ୍ଚଳକୁ ଏହି ବର୍ଷା ବିସ୍ତାର କରିବାର ସମ୍ଭାବନା ରହିଛି।

ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ବିସ୍ତୃତ ବର୍ଷା ହେବାର ସମ୍ଭାବନା ରହିଛି। ଆଭ୍ୟନ୍ତରୀଣ ସମେତ ପଶ୍ଚିମ ଓଡ଼ିଶାରେ ବର୍ଷାର ପ୍ରଭାବ ରହିବ। ପଶ୍ଚିମ ଓଡ଼ିଶାର ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହି ଜିଲ୍ଲାଗୁଡ଼ିକ ହେଲା ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର ଏବଂ ଝାରସୁଗୁଡ଼ା।

ସେହିପରି ୧୧ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା କେନ୍ଦୁଝର, ଅନୁଗୁଳ, ବୌଦ୍ଧ, ସୋନପୁର, ବରଗଡ଼, ବଲାଙ୍ଗୀର, ନୂଆପଡ଼ା, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର ଏବଂ କୋରାପୁଟ। ଏହି ଜିଲ୍ଲା ଗୁଡ଼ିକରେ ପ୍ରବଳ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Tags: #Weather #WeatherReport #HeavyRainfall #OrangeWarning #YellowWarning

Comment