ଓଡ଼ିଶାଲାଇଭ୍ ବ୍ୟୁରୋ

  • ବିପର୍ଯ୍ୟୟ ସମୟରେ ତ୍ଵରିତ ଉଦ୍ଧାର କାର୍ଯ୍ୟ ପାଇଁ ନିୟୋଜିତ ହେବେ
  • କଟକ, ସମ୍ବଲପୁର ଓ ବ୍ରହ୍ମପୁରରେ ରହିବ ୩ଟି ୟୁନିଟ୍
  • ସୃଷ୍ଟି ହେବ ୧୪୪ଟି ପଦବୀ

ଏଣିକି ଅଧିକ ଦକ୍ଷ ଏବଂ କ୍ରିୟାଶୀଳ ହେବ ଅଗ୍ନିଶମ ବାହିନୀ। ବର୍ତ୍ତମାନ ସମୟର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଅଗ୍ନିଶମ ବାହିନୀକୁ ଅଧିକ ଦକ୍ଷ ଓ କ୍ରିୟାଶୀଳ କରାଯିବା ଉପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁତ୍ଵାରୋପ କରିଛନ୍ତି। ବିଶେଷ ଭାବେ ଅଗ୍ନି ଦୁର୍ଘଟଣା ସମୟରେ ଲୋକଙ୍କ ଉଦ୍ଧାର କାର୍ଯ୍ୟ ଯେପରି ତ୍ଵରାନ୍ଵିତ ଭାବରେ କରାଯାଇପାରିବ, ତାକୁ ଦୃଷ୍ଟିରେ ରଖି ୧୪୪ ସଦସ୍ୟ ବିଶିଷ୍ଟ ଏକ ଷ୍ଟ୍ରାଇକିଂ ଫାୟାର ଫୋର୍ସ ଗଠନ କରାଯିବ। ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମଦୋନ ମିଳିଛି।

ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ରାଜ୍ୟର କଟକ, ସମ୍ବଲପୁର ଓ ବ୍ରହ୍ମପୁରରେ ଥିବା ୩ଟି ଜୋନ୍‌ରେ ଷ୍ଟ୍ରାଇକିଂ ଫାୟାର ଫାୟାର ଫୋର୍ସର ୩ଟି କାର୍ଯ୍ୟାଳୟ ରହିବ। ୩ଟି କାର୍ଯ୍ୟାଳୟ ଲାଗି ସମୁଦାୟ ୧୪୪ଟି ପଦବୀ କରାଯିବ। ଏଥିରେ ଆସିଷ୍ଟାଣ୍ଟ ଫାୟାର ଅଫିସର, ଷ୍ଟେସନ ଅଫିସର, ଆସିଷ୍ଟାଣ୍ଟ ଷ୍ଟେସନ ଅଫିସର, ହାବିଲଦାର ମେଜର, ଡ୍ରାଇଭର ହାବିଲଦାର, ହାବିଲଦାର ମେକାନିକ୍, ଲିଡିଂ ଫାୟାରମ୍ୟାନ, ଫାୟାରମ୍ୟାନ ଡ୍ରାଇଭର ଓ ଫାୟାରମ୍ୟାନ ଆଦି ପଦବୀ ରହିବ।

ସମସ୍ତ ପ୍ରକାର ପ୍ରାକୃତିକ ବିପର୍ଯ୍ୟୟ କିମ୍ବା ମନୁଷ୍ୟକୃତ ବିପର୍ଯ୍ୟୟ ବା ଦୁର୍ଘଟଣା ସମୟରେ ଓଡ଼ିଶା ଅଗ୍ନିଶମ ବିଭାଗ ସେବା ତୁରନ୍ତ ଯୋଗାଇ ଦେଉଛି। ଉଦ୍ଧାର କାର୍ଯ୍ୟରେ ଅଗ୍ନିଶମ ବିଭାଗର ଗୁରୁତ୍ଵପୂର୍ଣ୍ଣ ଭୂମିକା ରହିଛି। ଅଗ୍ନିଶମ ବାହିନୀକୁ ତୁରନ୍ତ କୌଣସି ବିପର୍ଯ୍ୟୟ ପ୍ରଶମନ କାର୍ଯ୍ୟରେ ନିୟୋଜିତ କରିବା ପାଇଁ ଆବଶ୍ୟକ ଆଧୁନିକ ଦକ୍ଷତା ଥିବା ଏକ ସ୍ଵତନ୍ତ୍ର ଫୋର୍ସର ଆବଶ୍ୟକତା ରହିଥିବା ଆୟୋଜିତ ବୈଠକରେ କୁହାଯାଇଥିଲା।  

ଏହି ବାହିନୀକୁ ସମସ୍ତ ପ୍ରକାର ଆଧୁନିକ ଯନ୍ତ୍ର ଓ ଅନ୍ୟାନ୍ୟ ସୁବିଧା ଯୋଗାଇ ଦେଇ ଏକ ଦକ୍ଷ କୌଶଳ ସମ୍ପନ୍ନ ଷ୍ଟ୍ରାଇକିଂ ଫୋର୍ସ ଭାବରେ ବିକଶିତ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଥିଲା। ୫-ଟି ସଚିବ ଭି କେ ପାଣ୍ଡିଆନ ବୈଠକ ପରିଚାଳନା କରିଥିଲେ। ଅଗ୍ନିଶମ ବିଭାଗର ଡିଜି ସନ୍ତୋଷ ଉପାଧ୍ୟାୟ ପ୍ରସ୍ତାବ ସମ୍ପର୍କରେ ଉପସ୍ଥାପନା କରିଥିଲେ। ଆଲୋଚନାରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସଞ୍ଜୀବ ଚୋପ୍ରା ଏବଂ ଅତିରିକ୍ତ ଡିଜି ସୌମ୍ୟା ମିଶ୍ର ପ୍ରମୁଖ ଭାଗ ନେଇଥିଲେ।

Tags: #FireFoce #StickingFireForce #OdishaCM #CMNaveenPatnaik #ApproveProposal

Comment