ଓଡ଼ିଶାଲାଇଭ୍ ବ୍ୟୁରୋ

ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଥିବା ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇ ଆଗାମୀ ୩୬ ଘଣ୍ଟା ମଧ୍ୟରେ ସୁଦୃଶ ଲଘୁଚାପ କ୍ଷେତ୍ରର ରୂପ ନେବାର ସମ୍ଭାବନା ରହିଛି। ଏହାର ପ୍ରଭାବ ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ରହିବ। ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ଆସନ୍ତା ୧୦ ଓ ୧୧ ତାରିଖରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଶୁକ୍ରବାର ଦିନ ରାଜ୍ୟର ଅଧିକାଂଶ ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ସେପ୍ଟେମ୍ବର ୧୦ ଓ  ୧୧ ତାରିଖରେ ରାଜ୍ୟର ୧୦ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ଏହି ସବୁ ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ୧୦ଟି ତାରିଖରେ ଅତିପ୍ରବଳ ବର୍ଷା ନେଇ ୧୧ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଥିବାବେଳେ ୧୪ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ। ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ଵର, ଦେବଗଡ଼, ଭଦ୍ରକ, ଢେଙ୍କାନାଳ, ଯାଜପୁର, କଟକ, ଅନୁଗୁଳ, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର ଓ ନୂଆପଡ଼ା।

ସେହିପରି ୧୧ ତାରିଖରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ରାଜ୍ୟର ୧୦ଟି ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା ଝାରସୁଗୁଡ଼ା, ଦେବଗଡ଼, ଢେଙ୍କାନାଳ, କଟକ, ସମ୍ବଲପୁର, ଅନୁଗୁଳ, ବରଗଡ଼, ସୋନପୁର, ବୌଦ୍ଧ ଏବଂ ବଲାଙ୍ଗୀର। ଏହା ସହିତ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଯାଜପୁର, ଭଦ୍ରକ, କେନ୍ଦୁଝର, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, କନ୍ଧମାଳ, କଳାଣ୍ଡି ଏବଂ ନୂଆପଡ଼ା ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟ ମଧ୍ୟରେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବା ପାଇଁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।

Tags: #Weather #Rainfall #HeavyRainfall #YellowWarning #OrangeWarning

Comment