ଓଡ଼ିଶାଲାଇଭ୍ ବ୍ୟୁରୋ

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ଦକ୍ଷିଣ ଓଡ଼ିଶା ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଅବପାତରେ ପରିଣତ ହୋଇଛି। ବର୍ତ୍ତମାନ ଏହା ଭବାନୀପାଟଣାଠାରୁ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ୧୯୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି। ପାଣିପାଗ ବିଭାଗର ସୂଚନା ଅନୁସାରେ ଦୁର୍ବଳ ହୋଇଛି ଅବପାତ। ଦକ୍ଷିଣ-ପୂର୍ବ ମଧ୍ୟପ୍ରଦେଶ ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଦୁର୍ବଳ ହୋଇ ଏକ ସୁଦୃଶ ଲଘୁଚାପ କ୍ଷେତ୍ର ଭାବେ ସକ୍ରିୟ ରହିଛି।

ଆଜି ଉପକୂଳ ସମେତ ପାର୍ଶ୍ୱବର୍ତ୍ତୀ ଜିଲ୍ଲା ଗୁଡ଼ିକରେ ଲାଗି ରହିଛି ବର୍ଷା। ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୧୦ଟି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହି ଜିଲ୍ଲାଗୁଡ଼ିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, ଭଦ୍ରକ, ବରଗଡ଼, ବଲାଙ୍ଗୀର, କନ୍ଧମାଳ, ନୂଆପଡ଼ା, କଳାହାଣ୍ଡି ଏବଂ ନବରଙ୍ଗପୁର। ସେହିପରି ୧୮ଟି ଜିଲ୍ଲା ପାଇଁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି ବାଲେଶ୍ଵର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ଦେବଗଡ଼, ଢେଙ୍କାନାଳ, ସମ୍ବଲପୁର, ଅନୁଗୁଳ, ସୋନପୁର, ବୌଦ୍ଧ, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି।

ଆସନ୍ତା ୧୩ ତାରିଖ ଯାଏଁ ଓଡ଼ିଶା ଉପକୂଳ ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି। ବଙ୍ଗୋପସାଗରରେ ଲଘୁଚାପକୁ ଦୃଷ୍ଟିରେ ରଖି ରାଜ୍ୟର ବନ୍ଦର ଓ ସମୁଦ୍ର କୂଳ ଗୁଡ଼ିକରେ ସତର୍କତା ଜାରି କରାଯାଇଛି। ଗୋପାଳପୁର, ପୁରୀ, ଧାମରା ଏବଂ ଚାନ୍ଦବାଲିରେ ୩ ନମ୍ବର ବିପଦ ସଙ୍କେତ ଜାରି କରାଯାଇଛି।

Tags: #Weather #HeavyRainfall #YellowWarning #OrangeWarning #RainfallInOdisha

Comment