ନବୀନ ପଟ୍ଟନାୟକ, ମୁଖ୍ୟମନ୍ତ୍ରୀ ଓଡ଼ିଶା

ଉଚ୍ଛେଦ ହେବ ସରକାରୀ ଚୁକ୍ତିଭିତ୍ତିକ ନିଯୁକ୍ତି ପ୍ରଥା। ରାଜ୍ୟରେ କାର୍ଯ୍ୟ ରତ ୫୭ ହଜାରରୁ ଊର୍ଦ୍ଧ୍ଵ ଚୁକ୍ତିଭିତ୍ତିକ କର୍ମଚାରୀ ନିୟମିତ ହେବେ ବୋଲି ଶନିବାର ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଡ଼ ଘୋଷଣା କରିଛନ୍ତି। ଏଥିପାଇଁ ରାଜ୍ୟ ସରକାରଙ୍କ ପାଣ୍ଠିରୁ ଖର୍ଚ୍ଚ ହେବ ୧୩୦୦ କୋଟି ଟଙ୍କା।
ଏହି ଘୋଣା ଅବସରରେ ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, ପ୍ରିୟ ଭାଇ ଓ ଭଉଣୀମାନେ, ଆପଣମାନଙ୍କୁ ସମସ୍ତଙ୍କୁ ନମସ୍କାର। ଆପଣମାନଙ୍କ ଆଶୀର୍ବାଦରେ ୨୦୦୦ ମସିହାରେ ମୁଁ ଓଡ଼ିଶା ମା’ର ସେବା କରିବାର ସୁଯୋଗ ପାଇଥିଲି। ମହାବାତ୍ୟା ପର ସ୍ଥିତି ଓ ଦୁର୍ବଳ ଆର୍ଥିକ ଅବସ୍ଥା ମୋ ପାଇଁ ସବୁଠାରୁ ବଡ଼ ଚ୍ୟାଲେଞ୍ଜ ଥିଲା।।ରାଜ୍ୟ ଓଭର ଡ୍ରାଫ୍ଟରେ ଚାଲୁଥିଲା। ନିତି ଦିନ ଖର୍ଚ୍ଚ ପାଇଁ ସରକାରଙ୍କୁ ରିଜର୍ଭ ବ୍ୟାଙ୍କ ଉପରେ ନିର୍ଭର କରିବାକୁ ପଡୁଥିଲା।।
ଓଡ଼ିଶା ଅର୍ଥନୀତି ପାଇଁ ଏହା ଏକ କଳା ସମୟ ଥିଲା। ରାଜକୋଷ ଖାଲି ଥିଲା। ଅର୍ଥନୀତି ଉପରେ ବହୁତ ଚାପ ଥିଲା। ଶିକ୍ଷା, ସ୍ଵାସ୍ଥ୍ୟ, ଭିତ୍ତିଭୂମି, କୃଷି, ଜଳସେଚନ ଆଦି ବିଭିନ୍ନ କ୍ଷେତ୍ରରେ ଆମେ ବହୁତ ପଛୁଆ ଥିଲୁ।
ବନ୍ୟା, ବାତ୍ୟା ଓ ମରୁଡ଼ି ଲାଗିରହିଥିଲା। ଗରିବୀ ବହୁ ଅଧିକ ଥିଲା। ସୀମିତ ସମ୍ବଳ ଭିତରେ ଏସବୁ କ୍ଷେତ୍ରରେ ଉନ୍ନତି ଆଣିବା ଥିଲା ଆମ ପାଇଁ ସବୁଠାରୁ ବଡ଼ ପ୍ରାଥମିକତା। ସେତେବେଳେ ନିଯୁକ୍ତି ପୁରାପୁରି ବନ୍ଦ ଥିଲା। ପୋଷ୍ଟ ସବୁ ଉଚ୍ଛେଦ କରିବାକୁ ପଡୁଥିଲା। ଏହା ମୋ ପାଇଁ ବହୁତ କଷ୍ଟକର ଥିଲା। ମୋ ରାଜ୍ୟର ପିଲାମାନେ ନିଯୁକ୍ତି ନପାଇ ହଇରାଣ ହେଉଥିଲେ। ଏହା ମୋତେ ବହୁତ ଦୁଃଖ ଦେଉଥିଲା। ପ୍ରତିଦିନ ମୋ ମନରେ ଚିନ୍ତା ଥିଲା, କେବେ ପରିସ୍ଥିତିରେ ଉନ୍ନତି ଆସିବ ଏବଂ ଆମ ପିଲାମାନେ ନିୟମିତ ନିଯୁକ୍ତି ପାଇବେ।
ଆପଣମାନଙ୍କର ସହଯୋଗ ଓ ମହାପ୍ରଭୁଙ୍କ ଆଶୀର୍ବାଦ ହିଁ ଆମର ସବୁଠାରୁ ବଡ଼ ଶକ୍ତି। ଉତ୍ତମ ଆର୍ଥିକ ପରିଚାଳନା ଓ ସୁଶାସନ ଜରିଆରେ ହିଁ ଧୀରେ ଧୀରେ ପରିସ୍ଥିତିରେ ଉନ୍ନତି ଆସିଲା। ୨୦୧୩ରୁ ଆମେ ଚୁକ୍ତିଭିତ୍ତିକ ନିଯୁକ୍ତି ଆରମ୍ଭ କଲୁ। ଏହା ମଧ୍ୟ ମୋ ପାଇଁ ଏକ କଷ୍ଟକର ନିଷ୍ପତ୍ତି ଥିଲା। ଏବେ ଆମ ଅର୍ଥନୀତିରେ ଉନ୍ନତି ଆସିଛି। ବିକାଶ କ୍ଷେତ୍ରରେ ଓଡ଼ିଶା ସାରା ଦେଶରେ ଏକ ନୂଆ ପରିଚୟ ସୃଷ୍ଟି କରିପାରିଛି। ଗତ ବର୍ଷ ଆମେ ଏହି ଚୁକ୍ତିଭିତ୍ତିକ ନିଯୁକ୍ତିକୁ ପରିବର୍ତ୍ତନ କରି ଇନିସିଆଲ ଆପଏଣ୍ଟିଂ କରିଥିଲୁ।
ଆଜି ମୁଁ ଖୁସିର ସହ ଘୋଷଣା କରୁଛି ଯେ, ଆଜି ରାଜ୍ୟ କ୍ୟାବିନେଟ ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବ୍ୟସ୍ଥାକୁ ସବୁଦିନ ପାଇଁ ଉଚ୍ଛେଦ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏବେ ବି ଅନେକ ରାଜ୍ୟରେ ନିୟମିତ ନିଯୁକ୍ତି ବନ୍ଦ ଅଛି। ଚୁକ୍ତିଭିତ୍ତିକ ନିଯୁକ୍ତି ଚାଲିଛି। ଓଡ଼ିଶାରେ ଚୁକ୍ତିଭିତ୍ତିକ ନିଯୁକ୍ତିର ଯୁଗ ଶେଷ ହେଲା। ସବୁ ଚୁକ୍ତିଭିତ୍ତିକ ନିଯୁକ୍ତି ନିୟମିତ ହେବ। ବହୁ ଦିନ ଧରି ଏ ସୁଦିନକୁ ମୁଁ ଅପେକ୍ଷା କରିଥିଲି। ଆସନ୍ତାକାଲି ବିଜ୍ଞପ୍ତି ପ୍ରକାଶ ପାଇବ। ୫୭ ହଜାରରୁ ଅଧିକ କର୍ମଚାରୀ ନିୟମିତ ହେବେ। ଏଥିପାଇଁ ହାରାହାରି ୧,୩୦୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ ହେବ। ସେମାନଙ୍କ ପରିବାର ପାଇଁ ଏହା ଆଗୁଆ ଦୀପାବଳି ଆଣିଛି। ଆଜି ଓଡ଼ିଶା ଆତ୍ମବିଶ୍ଵାସର ସହ ଆଗକୁ ବଢୁଛି। ସଶକ୍ତ ହେଉଛି। ଓଡ଼ିଶା ଇତିହାସର ଏହା ଏକ ସୁବର୍ଣ୍ଣ ମୁହୂର୍ତ୍ତ।
ସରକାରୀ କର୍ମଚାରୀମାନଙ୍କୁ ମୋର ଅନୁରୋଧ, ଆପଣମାନେ ସମସ୍ତେ ଭଲ କାମ କରନ୍ତୁ। ନିଷ୍ଠାର ସହ ଲୋକଙ୍କ ସେବା କରନ୍ତୁ। ଦାୟିତ୍ଵ ପାଳନ କରିବାବେଳେ, ୫-ଟି ଉପକ୍ରମ, ଟିମ୍ ୱାର୍କ, ଟେକ୍ନୋଲୋଜି, ଟ୍ରାନ୍ସପରେନ୍ସି ଓ ଟ୍ରାନ୍ସଫର୍ମସେନକୁ ଅନୁସରଣ କରନ୍ତୁ। ସରକାରଙ୍କ ପରିଚୟକୁ ଆହୁରି ଉଜ୍ଜ୍ଵଳ କରନ୍ତୁ ଏବଂ ଓଡ଼ିଶାର ରୂପାନ୍ତରରେ ନିଜର ଗୁରୁତ୍ଵପୂର୍ଣ୍ଣ ଅବଦାନ ରଖନ୍ତୁ।
Tags: #OdishaGovt #CMNaveenPatnaik #ContractualService #PermanentService


















