ଓଡ଼ିଶାଲାଇଭ୍ ବ୍ୟୁରୋ

ଦକ୍ଷିଣ-ପୂର୍ବ ପାର୍ଶ୍ଵବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଥିବା ଲଘୁଚାପ ଶନିବାର ଦିନ ଅବପାତର ରୂପ ନେଇଛି। ପରବର୍ତ୍ତୀ ସମୟରେ ଏହା ଧୀରେ ଧୀରେ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହେବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ। ପଶ୍ଚିମ କେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ପହଞ୍ଚିବା ପରେ ଏହା ବାତ୍ୟା ବା ସାମୁଦ୍ରିକ ଝଡ଼ର ରୂପ ନେବ।

ବାତ୍ୟା ଉତ୍ତର-ଉତ୍ତର ପୂର୍ବ ଦିଗରେ ଗତି କରିବ। ଆସନ୍ତା ୨୫ ତାରିଖ ବେଳକୁ ଏହା ପଶ୍ଚିମବଙ୍ଗ ଏବଂ ବାଂଲାଦେଶର ଉପକୂଳ ନିକଟ ସମୁଦ୍ର ଅଞ୍ଚଳରେ ପହଞ୍ଚିବାର ସମ୍ଭାବନା ରହିଛି। ବାତ୍ୟା ‘ସିତ୍ରାଙ୍ଗ’ ଓଡ଼ିଶା ଉପକୂଳକୁ ସାମାନ୍ୟ ଛୁଇଁ ଚାଲିଯିବ। ଓଡ଼ିଶା ଉପରେ ଏହାର ବିଶେଷ ପ୍ରଭାବ ରହିବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଓଡ଼ିଶାର ଉପକୂଳ ଜିଲ୍ଲାଗୁଡ଼ିକର କିଛି ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି। ୨୪ ତାରିଖ ସକାଳୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିବ ମୁଖ୍ୟତଃ ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଏବଂ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଆସନ୍ତା ୨୫ ତାରିଖ ବେଳକୁ ବର୍ଷାର ପ୍ରଭାବ ବାଲେଶ୍ଵର, ଭଦ୍ରକ, ଜଗତସିଂହପୁର ଏବଂ କେନ୍ଦ୍ରାପଡ଼ା ଜିଲ୍ଲାରେ ଅଧିକ ରହିବ। ଏଠାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଠାରେ ବର୍ଷାର ପରିମାଣ ୭-୨୦ ସିଏମ ମଧ୍ୟରେ ରହିବ। ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, ଖୋର୍ଦ୍ଧା ଏବଂ ପୁରୀ ଜିଲ୍ଲାରେ ପବଳ ବର୍ଷା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ବାଲେଶ୍ଵର, ଭଦ୍ରଦ, କେନ୍ଦ୍ରାପଡ଼ା, କଟକ ଏବଂ ଜଗତସିଂହପୁର ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ୨୨ରୁ ୨୫ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ସମ୍ପୂର୍ଣ୍ଣ ଭାବେ ବାରଣ କରାଯାଇଛି। ଯେଉଁମାନେ ସମୁଦ୍ର ମଧ୍ୟକୁ ଯାଇଛନ୍ତି ସେମାନଙ୍କୁ ଫେରିଆସିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।

Tags: #Cyclone #CycloneUpdates #Sitrang #WeatherForecast #Weather #CycloneAlert #LowPressure #Depression

LEAVE A REPLY

Please enter your comment!
Please enter your name here