ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜ୍ୟର ବିଭିନ୍ନ ସ୍ଥାନରେ ଶୀତ ପଡ଼ିବା ଆରମ୍ଭ ହୋଇଗଲାଣି। କୋରାପୁଟ, କନ୍ଧମାଳ ଆଦି ଆଭ୍ୟନ୍ତରୀଣ ଅଞ୍ଚଳରେ ଦିନକୁ ଦିନ ତାପମାତ୍ର ହ୍ରାସ ପାଉଛି। ଆଗାମୀ ଦିନରେ ଶୀତର ପ୍ରକୋପ ଆହୁରି ବୃଦ୍ଧି ପାଇବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହାକୁ ଦୃଷ୍ଟିରେ ରଖି ଲୋକଙ୍କୁ ଶୀତ ସହାୟତା ପ୍ରଦାନ କରିବାକୁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ।

ରାଜ୍ୟରେ ଶୀତ ଲହରୀ ଏବଂ ଗରିବ ଲୋକଙ୍କୁ ଶୀତ ସହାୟତା ଯୋଗାଇବା ନେଇ ଆୟୋଜିତ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ଡିସେମ୍ବର ପହିଲା ସୁଦ୍ଧା ଗରିବ ହିତାଧିକାରୀଙ୍କୁ କମ୍ବଳ କିଣିବା ପାଇଁ ୩୦୦ ଟଙ୍କା ଲେଖାଏଁ ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।

ଏହାଦ୍ଵାରା ମଧୁବାବୁ ପେନ୍ସନ ଯୋଜନା ଓ ଜାତୀୟ ପେନ୍‌ସନ ଯୋଜନା (ଏନଏସଏପି)  ଅନ୍ତର୍ଗତ ୪୮ ଲକ୍ଷରୁ ଊର୍ଦ୍ଧ୍ଵ ହିତାଧିକାରୀ ଉପକୃତ ହେବେ। ଏଥିପାଇଁ ରାଜ୍ୟ ସରକାର ୧୪୬ କୋଟି ଟଙ୍କା ମଞ୍ଜୁର କରିଛନ୍ତି।

ଏହା ସହିତ ଶୀତ ପ୍ରବାହ ସମୟରେ କେହି ଯେପରି ଖୋଲା ସ୍ଥାନରେ ଅସହାୟ ଅବସ୍ଥାରେ ନରୁହନ୍ତି, ସେଥିପ୍ରତି ବିଶେଷ ଦୃଷ୍ଟି ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ପଞ୍ଚାୟତିରାଜ ବିଭାଗ, ନଗର ଉନ୍ନୟନ ବିଭାଗ ତଥା ଜିଲ୍ଲାପାଳ ଓ ମ୍ୟୁନିସିପାଲ କର୍ତ୍ତୃପକ୍ଷମାନେ ତୁରନ୍ତ ପଦକ୍ଷେପ ନେବା ଲାଗି ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ସୂଚନାଯୋଗ୍ୟ ଯେ, ପ୍ରତି ଦୁଇ ବର୍ଷରେ ଥରେ ରାଜ୍ୟ ସରକାର ପେନ୍ସନ ହିତାଧିକାରୀମାନଙ୍କୁ ଗ୍ରୀଷ୍ମ ଓ ଶୀତ ସହାୟତା ଯୋଗାଇ ଦେଇଆସୁଛନ୍ତି।

ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୮୫୫ଟି ଯାତ୍ରୀ ଆଶ୍ରୟସ୍ଥଳୀ ଖୋଲାଯାଇଥିବା ବେଳେ ଆବଶ୍ୟକସ୍ଥଳେ ପଞ୍ଚାୟତ କାର୍ଯ୍ୟାଳୟ ଓ ସ୍କୁଲ ଘରଗୁଡ଼ିକୁ ମଧ୍ୟ ରାତ୍ରୀ ଆଶ୍ରୟସ୍ଥଳ ଭାବରେ ବ୍ୟବହାର କରିବା ପାଇଁ ବୈଠକରେ ନିଷ୍ପତ୍ତି ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ନଭେମ୍ବର ୩୦ ଓ ଡିସେମ୍ବର ୧ ତାରିଖ ଏହି ଦୁଇ ଦିନ ମଧ୍ୟରେ ସମସ୍ତ  ହିତାଧିକାରୀଙ୍କୁ ସହାୟତା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଏହି ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ପି.କେ. ଜେନା, ୫-ଟି ସଚିବ ଭି.କେ. ପାଣ୍ଡିଆନ ତଥା ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ।

Tags: #CMOdisha #NaveenPatnaik #Winter #WinterAssistance

Comment