ଓଡ଼ିଶାଲାଇଭ୍‌ ବ୍ୟୁରୋ

ରାଉରକେଲାରେ ବିର୍ସାମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମର ନିର୍ମାଣ କାର୍ଯ୍ୟ ଶେଷ ହୋଇଛି। ତେଣୁ ୨୦୨୩ ହକି ପୁରୁଷ ବିଶ୍ୱକପ୍‌ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମ ସହିତ ରାଉରକେଲାର ଏହି ଷ୍ଟାଡିୟମରେ ଖେଳାଯିବ। ଏହା ପୂର୍ବରୁ ବିର୍ସାମୁଣ୍ଡା ଅନ୍ତର୍ଜାତୀୟ ଷ୍ଟାଡିୟମରେ ଡିସେମ୍ବର ୨୪ରୁ ଅଭ୍ୟାସ ମ୍ୟାଚ ଖେଳାଯିବ। ସୋମବାର ଦିନ ରାଉରକେଲା ଗସ୍ତରେ ଆସି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏ ସମ୍ପର୍କରେ ସୂଚନା ଦେଇଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ଏବଂ ୫ଟି ସଚିବ ଭି.କେ.ପାଣ୍ତିଆନ ରାଉରକେଲା ଗସ୍ତରେ ଆସି ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ପରିଦର୍ଶନ କରିଥିଲେ। ଏହି ସଚିବସ୍ତରୀୟ ଟିମରେ କ୍ରୀଡ଼ା ଏବଂ ଯୁବ ସେବା ବିଭାଗର ସଚିବ ଆର୍ ଭିନିଲକ୍ରୀଷ୍ଣା ଏବଂ ଇଡକୋ ପରିଚାଳନା ନିର୍ଦ୍ଦେଶକ ଭୁପେନ୍ଦ୍ର ସିଂ ପୁନିଆ ମଧ୍ୟ ଆସିଥିଲେ।

ଏହି ସଚିବ ସ୍ତରୀୟ ଟିମ ମୁଖ୍ୟ ପଡ଼ିଆ ସହିତ ଅଭ୍ୟାସ ପଡ଼ିଆ, ଦର୍ଶକ ଗ୍ୟାଲେରି, ଖେଳାଳିମାନଙ୍କ ରହଣିସ୍ଥଳ ଆଦି ବୁଲି ଦେଖିଥିଲେ। ପରେ ରାଉରକେଲା ବିମାନବନ୍ଦରଠାରେ ବିଶ୍ୱକପ୍‌ ଆୟୋଜନ ନେଇ ସ୍ଥାନୀୟ ଅଧିକାରୀମାନଙ୍କ ସହ ମୁଖ୍ୟ ଶାସନ ସଚିବ ଆଲୋଚନା କରିଥିଲେ।

‘‘ଉଭୟ ମୁଖ୍ୟ ଓ ଅଭ୍ୟାସ ପଡ଼ିଆର  ନିର୍ମାଣ କାର୍ଯ୍ୟ ଶେଷ ହୋଇଛି। ଷ୍ଟାଡିୟମର ଦୁଇଟିଯାକ ପିଚ୍‌ ଓ ହାଇମାଷ୍ଟ ଲାଇଟ ଯାଂଚ ପରେ ଖେଳ ପାଇଁ ଲାଇସେନ୍‌ସ ମିଳିଛି। ହକି ବିଶ୍ୱକପର ୨୦ଟି ମ୍ୟାଚ ରାଉଲକେଲାରେ ଖେଳାଯିବ। ପ୍ରଥମ ମ୍ୟାଚ ଆସନ୍ତା ଜାନୁଆରି ୧୩ ତାରିଖରେ ଭାରତ ଓ ସ୍ପେନ ମଧ୍ୟରେ ଅନୁଷ୍ଠିତ ହେବ’’, ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର।

ମୁଖ୍ୟ ଶାସନ ସଚିବ ଆହୁରି କହିଛନ୍ତି ଯେ, ଆସନ୍ତା ୨୪ ତାରିଖରୁ ତିନୋଟି ଅଭ୍ୟାସ ମ୍ୟାଚ ଖେଳାଯିବ। ଏହି ଅଭ୍ୟାସ ମ୍ୟାଚ ସମୟରେ ଯଦି କିଛି ତ୍ରୁଟି ଥିବା ନେଇ ଜଣାପଡ଼େ ତେବେ ଭିତ୍ତିଭୂମିକୁ ଦୃଢ଼ କରିବା ନିମନ୍ତେ ପଦକ୍ଷେପ ଗ୍ରହଣ କରାଯିବ।

ଏହି ଗସ୍ତ ବେଳେ ସଚିବ ସ୍ତରୀୟ ଟିମ ରାଉରକେଲା ବିମାନ ବନ୍ଦରର କାର୍ଯ୍ୟ ସମୀକ୍ଷା କରିଥିଲେ। ସେ କହିଥିଲେ ଯେ, ବିମାନ ବନ୍ଦରର କାମ ଶେଷ ହୋଇଛି। ଖୁବଶୀଘ୍ର ଆବଶ୍ୟକୀୟ ଲାଇସେନ୍ସ ମିଳିବ। ଉଡ଼ାଣ ଯୋଜନାରେ ଖେଳାଳିମାନଙ୍କ ପାଇଁ ୪ଟି ବିମାନ ଉଡ଼ାଣ ସୁବିଧା ମିଳିବ।

ବର୍ଷକ ଭିତରେ ଏଭଳି ଏକ ବିଶ୍ୱସ୍ତରୀୟ ଷ୍ଟାଡିୟମ ନିର୍ମାଣ କରାଯାଇଛି। ଏଥିପାଇଁ ସୁନ୍ଦରଗଡ଼ ଓ ରାଉଲକେଲାବାସୀଙ୍କୁ ମୁଖ୍ୟଶାସନ ସଚିବ ଓ ୫-ଟି ସଚିବ ଧନ୍ୟବାଦ ଜଣାଇଥିଲେ।

ରାଉରକେଲାରେ ପ୍ରଥମ ଥର ପାଇଁ ହକି ବିଶ୍ୱକପ ହେବାକୁ ଯାଉଛି। ତେଣୁ ହକି ମ୍ୟାଚ ଦେଖିବା ଲାଗି ରାଜ୍ୟ ତଥା ରାଜ୍ୟ ବାହାରୁ ବହୁ ଦର୍ଶକ ରାଉରକେଲାକୁ ଆସିବେ। ତେଣୁ ଦର୍ଶକମାନଙ୍କ ଗାଡ଼ିଗୁଡ଼ିକୁ ସୁବିଧାରେ ରଖିବା ପାଇଁ ଷ୍ଟାଡିୟମ ଚାରିପଟେ ଆଧୁନିକ ପାର୍କିଂ ସ୍ଥଳ କରାଯାଉଛି। ତା’ଛଡ଼ା ଷ୍ଟାଡିୟମ ଭିତରେ ପାନୀୟ ଜଳ ଏବଂ ଶୌଚାଳୟ ଆଦି ସୁବିଧା କରାଯାଉଛି। ଯେଉଁ ଦର୍ଶକମାନେ ଷ୍ଟାଡିୟମ ବାହାରେ ରହିଥିବେ ସେମାନଙ୍କ ପାଇଁ ବିଭିନ୍ନ ସ୍ଥାନରେ ଏଲଇଡି ଲଗାଇବାର ବ୍ୟବସ୍ଥା କରାଯାଉଛି।

ଏହି ଗସ୍ତ ସମୟରେ ସୁନ୍ଦରଗଡ଼ ଜିଲ୍ଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲି, ରାଉରକେଲା ଅତିରିକ୍ତ ଜିଲ୍ଲାପାଳ ତଥା ମହାନଗର ନିଗମ କମିଶନର ଡାକ୍ତର ଶୁଭଙ୍କର ମହାପାତ୍ରଙ୍କ ସହିତ ଜିଲ୍ଲା ପ୍ରଶାସନ ଏବଂ ରାଉରକେଲା ମହାନଗର ନିଗମର ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ।

୨୦୨୩ ପୁରୁଷ ହକି ବିଶ୍ୱକପ ଓଡ଼ିଶାରେ ଖେଳାଯିବ। ଏହି ଷ୍ଟାଡିୟମରେ ଏକାସାଙ୍ଗରେ ୨୦ ହଜାରରୁ ଅଧିକ ଦର୍ଶକ ବସି ଖେଳ ଉପଭୋଗ କରିପାରିବେ।

Tags: #HockeyWorldcup #OdishaForHockey #OdishaForSports #HWC2023 #FIH

Comment