ଓଡ଼ିଶାଲାଇଭ୍ ବ୍ୟୁରୋ

ଆଜି ବିଜୁ ଜନତା ଦଳ ପାଳନ କରୁଛି ୨୬ତମ ପ୍ରତିଷ୍ଠା ଦିବସ। ଶ୍ରୀକ୍ଷେତ୍ରରେ ଏବର୍ଷ ପ୍ରତିଷ୍ଠା ଦିବସ ସମାରୋହ ଅନୁଷ୍ଠିତ ହେଉଛି। ଏଥିରେ ୪୦ରୁ ୫୦ ହଜାର କର୍ମୀ ଓ ନେତାଙ୍କ ସମାଗମ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ଵରେ ପୁଣି ଥରେ ଦଳୀୟ କର୍ମୀ ପୁରୀରେ ଜନସେବା ପାଇଁ ସଂକଳ୍ପ ନେବେ।

ରାଜ୍ୟବାସୀଙ୍କ ସେବାରେ ନିଜକୁ ଉତ୍ସର୍ଗ କରିବା ପାଇଁ ପୁଣି ଥରେ ବିଜେଡି ସୁପ୍ରିମୋ ଦେବେ ଗୁରୁମନ୍ତ୍ର। ଏଥିପାଇଁ ନେତା ଓ କର୍ମୀ ମହଲରେ ଦେଖିବାକୁ ମିଳିଛି ଭରପୂର ଉତ୍ସାହ। ଦଳର ୨୫ ବର୍ଷ ପୂର୍ତ୍ତି ଉତ୍ସବକୁ ପାଳନ ପାଇଁ ପୁରୀ ତାଳବଣିଆରେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ୧୯୯୭ ମସିହା ଡିସେମ୍ବର ୨୬ରୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରେ ଗଠନ ହୋଇଥିଲା ବିଜୁ ଜନତା ଦଳ।

ସେଥିପାଇଁ ରୌପ୍ୟ ଜୟନ୍ତୀ ସମାରୋହ ପାଳନ ପାଇଁ ଶ୍ରୀକ୍ଷେତ୍ରକୁ ବାଛିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଦୀର୍ଘ ୨୫ ବର୍ଷ ଧରି ରାଜ୍ୟବାସୀଙ୍କ ସେବା କରିଆସୁଛି ଦଳ। ୧୯୯୯ ମସିହାର ମହାବାତ୍ୟାର ବିଭିଷୀକା ପରେ ୨୦୦୦ ମସିହାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ଵରେ ବିଜେଡି କ୍ଷମତାସୀନ ହୋଇଥିଲା। ଦିନେ ନିଅଣ୍ଟିଆ ରାଜ୍ୟର ପରିଚୟ ପାଇଥିବା ଓଡ଼ିଶା ଏବେ ଦେଶକୁ ଆହାର ଯୋଗାଉଛି। ଆଉ ସେଥିପାଇଁ ରାଜ୍ୟବାସୀ ଥରେ ନୁହେଁ ଲଗାତାର ୫ ଥର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନିଜ ମୁଖ୍ୟମନ୍ତ୍ରୀ ଭାବେ ନିର୍ବାଚିତ କରିଆସୁଛନ୍ତି।

ଓଡ଼ିଶାବାସୀଙ୍କ ହୃଦୟରେ ସ୍ଵତନ୍ତ୍ର ସ୍ଥାନ ସୃଷ୍ଟି କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ଦଳର ରୌପ୍ୟ ଜୟନ୍ତୀ ସମାରୋହରେ ରାଜ୍ୟବାସୀଙ୍କ ପାଇଁ କିପରି ଆହୁରି ଅଙ୍ଗୀକାରବଦ୍ଧ ହୋଇ କିପରି କାର୍ଯ୍ୟ କରିବେ ସେନେଇ ଦଳ ସଭାପତି ଗୁରୁମନ୍ତ୍ର ଦେବେ।

Tags: #26thFoundationDay #BJD #NaveenPatnaik #CMO #Odisha

Comment