ଓଡ଼ିଶାଲାଇଭ୍ ବ୍ୟୁରୋ

ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର କେତେକ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଲାଗି ରହିଛି। ଆଗକୁ ବର୍ଷାର ପରିମାଣ ଆହୁରି ବଢ଼ିବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ପାରାଦୀପ ରାଡାରୁ ମିଳିଥିବା ସୂଚନା ଅନୁଯାୟୀ ମୟୂରଭଞ୍ଜ ଜିଲ୍ଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଜାରି ରହିଛି। ମୟୂରଭଞ୍ଜ ଜିଲ୍ଲାରେ ବିପଦ ଜନକ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେଉଛି। ଶନିବାର ଦିନ ପଶ୍ଚିମା ଝଡ଼ ରାଜ୍ୟରେ ଅଧିକ ପ୍ରଭାବ ଦେଖାଇବ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର।

ଆସନ୍ତା ୨୪ ଘଣ୍ଟା ପାଇଁ ରାଜ୍ୟର ୯ଟି ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ କୁଆ ପଖର ପଡ଼ିବା ନେଇ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କଟକ, ଖୋର୍ଦ୍ଧା, ନୟାଗଡ଼, ଜଗତସିଂହପୁର ଏବଂ ପୁରୀ। ଏହି ସମୟରେ ପବନର ବେଗ ୪୦ରୁ ୫୦ କିଲୋମିଟର ରହିବ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର।

ଏହା ସହ ପ୍ରବଳ ବର୍ଷା ନେଇ କଟକ, ଯାଜପୁର ଏବଂ ଢେଙ୍କାନାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଏହି ୩ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପବନ, ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ଗଞ୍ଜାମ, ଗଜପତି, ନୂଆପଡ଼ା, ବଲାଙ୍ଗୀର, ବୌଦ୍ଧ, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେଓଗଡ଼ ଏବଂ ସୁନ୍ଦରଗଡ଼ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

Tags: #Weather #WeatherUpdates #Rainfall #HeavyRainfall #RainfallinOdisha #OrangeWarning

LEAVE A REPLY

Please enter your comment!
Please enter your name here