ଓଡ଼ିଶାଲାଇଭ୍ ବ୍ୟୁରୋ

ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ପାଇଁ ବିଜେଡି ବିଧାୟକ ପ୍ରାର୍ଥୀ ଦୀପାଳି ଦାସ ଶନିବାର ଦିନ ଦଳୀୟ ଟିକେଟ ନେଇଛନ୍ତି। ଦୀପାଳି ଆଜି ନବୀନ ନିବାସ ଯାଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଭେଟିବା ସହ ତାଙ୍କଠାରୁ ବିଜେଡି ଟିକେଟ ଗ୍ରହଣ କରିଛନ୍ତି।

ଦୀପାଳିଙ୍କୁ ଟିକେଟ ଦେବା ପରେ ଲୋକଙ୍କ କଲ୍ୟାଣ ସହ ଝାରସୁଗୁଡ଼ାର ବିକାଶ ପ୍ରକ୍ରିୟାକୁ ଆହୁରି ଆଗକୁ ନେବା ପାଇଁ ଉପନିର୍ବାଚନରେ ବିଜେଡିକୁ ସମର୍ଥନ ଦେବା ଲାଗି ମୁଖ୍ୟମନ୍ତ୍ରୀ ଝାରସୁଗୁଡ଼ାବାସୀଙ୍କୁ ଅନୁରୋଧ କରିଛନ୍ତି।

ଦଳୀୟ ଟିକେଟ ପାଇବା ପରେ ଦୀପାଳି ଗଣମାଧ୍ୟମକୁ ନିଜର ପ୍ରତିକ୍ରିୟା ଦେଇ ଉପନିର୍ବାଚନରେ ବିଜୟୀ ହେବା ଲାଗି ସମ୍ପୂର୍ଣ୍ଣ ଆଶାବାଦୀ ଥିବା କହିଛନ୍ତି।

ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ଲାଗି ତାରିଖ ଘୋଷଣା ହେବା ପରେ ଗତ ମାର୍ଚ୍ଚ ୧୩ ତାରିଖରେ ସର୍ବ ପ୍ରଥମେ ଦୀପାଳି ଦାସଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କରିଥିଲା ବିଜେଡି।

ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ଲାଗି ଏପ୍ରିଲ ୧୫ ତାରିଖରେ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ମେ’ ୧୦ ତାରିଖରେ ହେବ ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ଲାଗି ମତଦାନ। ଏପ୍ରିଲ ୨୦ ତାରିଖ ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ ରହିଛି। ଏପ୍ରିଲ ୨୦ ତାରିଖ ପ୍ରାର୍ଥିପତ୍ର ଯାଞ୍ଚ ଏବଂ ଏପ୍ରିଲ ୨୪ ପ୍ରାର୍ଥିପତ୍ର ପ୍ରତ୍ୟାହାର ପାଇଁ ସମୟ ଦିଆଯାଇଛି। ମେ’ ୧୩ ତାରିଖରେ ଭୋଟ ଗଣତି ହୋଇ ଫଳାଫଳ ପ୍ରକାଶ ପାଇବ।

ଦୀପାଳି ଦାସ ହେଉଛନ୍ତି ଦିବଙ୍ଗତ ମନ୍ତ୍ରୀ ନବ କିଶୋର ଦାସଙ୍କ ଝିଅ। ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ତାରିଖ ଘୋଷଣା ହେବା ପୂର୍ବରୁ ଦୀପାଳି ବିଜେଡି ପ୍ରାର୍ଥୀ ହେବା ନେଇ ଚର୍ଚ୍ଚା ହେଉଥିଲା।

ନବ କିଶୋର ଦାସଙ୍କ ହତ୍ୟା ପରଠାରୁ ଖାଲିପଡ଼ିଥିବା ଝାରସୁଗୁଡ଼ା ବିଧାନସଭା ଆସନ ଲାଗି ଆସନ୍ତା ମେ’ ୧୦ ତାରିଖରେ ଉପନିର୍ବାଚନ ହେବାକୁ ଯାଉଛି।

ଗତ ଜାନୁଆରି ୨୯ ତାରିଖ ଦିନ ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଇଥିବାବେଳେ ବ୍ରଜରାଜନଗର ଗାନ୍ଧୀ ଛକଠାରେ ଗୁଳିମାଡ଼ର ଶିକାର ହୋଇଥିଲେ ମନ୍ତ୍ରୀ ନବ କିଶୋର ଦାସ। ପରେ ତାଙ୍କର ମୃତ୍ୟୁ ହୋଇଥିଲା। ନବ ଦାସଙ୍କୁ ହତ୍ୟା କରିବା ଅଭିଯୋଗରେ ଗାନ୍ଧୀ ଛକ ଫାଣ୍ଡି ଏଏସଆଇ ଗୋପାଳ ଦାସ ଗିରଫ ହୋଇ ବର୍ତ୍ତମାନ ବିଚାର ବିଭାଗୀୟ ହାଜତରେ ରହିଛି।

Tags: #Politics #OdishaPolitics #JharsugudaByElection #DeepaliDas #NabaKishorDas #BJDCandidate #BJDTicket

Comment