ଓଡ଼ିଶାଲାଇଭ୍ ବ୍ୟୁରୋ

ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଓଡ଼ିଶା ଉପକୂଳ ସମୁଦ୍ର ମଧ୍ୟରେ ଏକ ଲଘୁଚାପ ସୃଷ୍ଟି ହୋଇଥିବାରୁ ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି। ଆସନ୍ତା ୨୬ ଏବଂ ୨୭ ତାରିଖ ବେଳକୁ ବର୍ଷା ପରିମାଣ ଆହୁରି ବଢ଼ିବାର ସମ୍ଭାବନା ରହିଛି। ସମ୍ବେଦନଶୀଳ ଅଞ୍ଚଳଗୁଡ଼ିକ ଉପରେ ନଜର ରଖିବାକୁ ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଏସଆରସିଙ୍କ ପକ୍ଷରୁ ସତର୍କ କରାଯାଇଛି।

ପ୍ରବାଳ ବର୍ଷା ଯୋଗୁଁ ସାମ୍ଭାବ୍ୟ ବନ୍ୟାର ମୁକାବିଲା କରିବା ଲାଗି ସମସ୍ତ ଜିଲ୍ଲା ପ୍ରଶାସନଙ୍କୁ ସଜାଗ ରହିବାକୁ କୁହାଯାଇଥିବାବେଳେ ଜଳ ସମ୍ପଦ ବିଭାଗର ଗ୍ରାଉଣ୍ଡରେ ଥିବା ଅଧିକାରୀ ଏବଂ ବିଦ୍ୟୁତ ବିଭାଗକୁ ମଧ୍ୟ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ଏସଆରସି ସତ୍ୟବ୍ରତ ସାହୁ। ବର୍ତ୍ତମାନ ସୁଦ୍ଧା କୌଣସି ସ୍ଥାନରେ ଅସ୍ଵାଭାବିକ ପରିସ୍ଥିତି ସୃଷ୍ଟି ହୋଇ ନାହିଁ ବୋଲି ସେ କହିଛନ୍ତି।

ଏପଟେ ରାଜ୍ୟରେ ବର୍ଷା ହେବା ନେଇ ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ସୂଚନା ଜାରି କରିଛି ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ବରଗଡ଼, ବୌଦ୍ଧ ସୋନପୁର ଏବଂ ସମ୍ବଲପୁର ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହା ସହ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କନ୍ଧମାଳ, ରାୟଗଡ଼ା, ଗଜପତି, ଗଞ୍ଜାମ, ଅନୁଗୁଳ, ନୟାଗଡ଼, କଟକ ଏବଂ ଢେଙ୍କାନାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଏହା ସହ ୨୨ ତାରିଖରେ ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ ହାଲୁକାରରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭବନା ରହିଛି। ବରଗଡ଼, ନୂଆପଡ଼ା, ଝାରସୁଗୁଡ଼ା, ସମ୍ବଲପୁର, ନବରଙ୍ଗପୁର, ମାଲକାନଗିରି ଏବଂ କୋରାପୁଟର ଗୋଟିଏରୁ ଦୁଇଟି ସ୍ଥାନରେ ଅତିପ୍ରବଳ ବର୍ଷା ହେବା ନେଇ ଆରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବାବେଳେ କଳାହାଣ୍ଡି, କନ୍ଧମାଳ ବଲାଙ୍ଗୀର, ସୋନପୁର, ବୌଦ୍ଧ, ଅନୁଗୁଳ ଏବଂ ଦେବଗଡ଼ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ଆସନ୍ତା ୨୩ ତାରିଖରେ ଉପକୂଳ ସମେତ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ଏବଂ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବା ନେଇ ଆକଳନ କରାଯାଇଛି। ଏହି ସମୟ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କଟକ, ଜଗତସିଂହ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ ଏବଂ ପୁରୀ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଆସନ୍ତା ୨୪ ତାରିଖରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବାନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ମାଲଗାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଜଗପତି, ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଏବଂ ବାଲେଶ୍ଵର ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

Tags: #Weather #WeatherUpdated #RainfallWarning #Odisha

Comment