ଓଡ଼ିଶାଲାଇଭ୍ ବ୍ୟୁରୋ

ଓଡ଼ିଶାରେ ଏବେ ଲଘୁଚାପ ପ୍ରଭାବରେ ଉପକୂଳ ଓ ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ବର୍ଷା ଜାରି ରହିଛି। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଏବେ ଅଧିକ ଘନୀଭୂତ ହୋଇଥିବାରୁ ରାଜ୍ୟରେ ଆହୁରି ୩ ଦିନ ବର୍ଷା ହେବ। ଗୁରୁବାର ପ୍ରବଳ ବର୍ଷା ପାଇଁ ଓଡ଼ିଶାର ୭ଟି ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏନେଇ ଭୁବନେଶ୍ଵର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର ଓ ବରଗଡ଼ ସାମିଲ ରହିଛନ୍ତି। ଏହି ସବୁ ଜିଲ୍ଲାରେ ୧୦ ମିଲିମିଟରରୁ ଅଧିକ ବର୍ଷା ହୋଇପାରେ ବୋଲି ଆକଳନ କରାଯାଇଛି।

ସେହିପରି ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଉତ୍ତର ଆନ୍ଧ୍ର ପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନରୁ ବାୟୁମଣ୍ଡଳର ୧.୫ କିଲୋମିଟର ଉଚ୍ଚତା ଯାଏଁ ବ୍ୟାପିଛି। ଏଥିପାଇଁ ଦକ୍ଷିଣ ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିବାର ସମ୍ଭାବନା ରହିଛି।

ଅନ୍ୟପଟେ ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୧୫.୧ ମିଲିମିଟର ବର୍ଷା ରେକର୍ଡ କରାଯାଇଛି, ଯାହା ସ୍ୱାଭାବିକ ବର୍ଷା ୧୨.୬ ମିଲିମିଟର ତୁଳନାରେ ୨୦ ପ୍ରତିଶତ ଅଧିକ ରହିଛି। ବୁଧବାର କଳାହାଣ୍ଡି ଜିଲ୍ଲାର ଜଇପାଟଣା ଠାରେ ୧୦୬ ମିଲିମିଟର ସହ ରାଜ୍ୟର ସର୍ବାଧିକ ବର୍ଷା ରେକର୍ଡ ହୋଇଛି।

ଚଳିତ ମୌସୁମୀ ଋତୁରେ ଏ ଯାଏଁ ରାଜ୍ୟରେ ୪୪୦.୯ ମିଲିମିଟର ବର୍ଷା ରେକର୍ଡ କରାଯାଇଛି, ଯାହା ସ୍ୱାଭାବିକ ବର୍ଷା ୫୦୧.୬ ମିଲିମିଟର ତୁଳନାରେ ୧୨ ପ୍ରତିଶତ କମ ରହିଛି। ଏହି ସମୟ ମଧ୍ୟରେ ମାଲକାନଗିରି ଜିଲ୍ଲାରେ ସର୍ବାଧିକ ୭୯୦.୩ ମିଲିମିଟର ବର୍ଷା ରେକର୍ଡ ହୋଇଥିବାବେଳେ ପୁରୀ ଜିଲ୍ଲାରେ ସର୍ବନିମ୍ନ ୨୭୬.୧ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।

Tags: #Monsoon #Rainfall #LowPressure #MCBBSR #Odisha

 

Comment