ଓଡ଼ିଶାଲାଇଭ୍ ବ୍ୟୁରୋ

ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତର ରୂପ ନେଇଛି। ଏହା ଉତ୍ତର-ପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୨୫ କିଲୋମିଟର ବେଗରେ ଗତି କରୁଛି। ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା ଏହା ବାଂଲାଦେଶର ଉପକୂଳ ଖେପୁପୁରା ଦେଇ ଅତିକ୍ରମ କରିବ। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ ଓ ଅନୁଗୁଳ ଜିଲ୍ଲାକୁ ଭୀଷଣ ବର୍ଷା ହେବା ନେଇ ରେଡ୍ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହା ସହିତ ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ବାଲେଶ୍ଵର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା ଏବଂ ପୁରୀ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବାବେଳେ ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗୀର, ନୂଆପଡ଼ା, କଳାହଣ୍ଡି, କନ୍ଧମାଳ, ନୟାଗଡ଼ ଏବଂ ଗଞ୍ଜାମ ଜିଲ୍ଲାକୁ ପ୍ରବଳ ବର୍ଷା ହେବା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ଆସନ୍ତା ଅଗଷ୍ଟ ୨ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼ ଏବଂ ବଲାଙ୍ଗୀର ଜିଲ୍ଲାକୁ ଭୀଷଣ ବର୍ଷା ହେବା ନେଇ ରେଡ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହା ସହ ଦେବଗଡ଼, କେନ୍ଦୁଝର, ଅନୁଗୁଳ, ସୋନପୁର, ବୌଦ୍ଧ, କନ୍ଧମାଳ ଏବଂ କଳାହାଣ୍ଡି ଜିଲ୍ଲାକୁ ପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୧.୬ ମିଲିମିଟର ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ଭୁବନେଶ୍ଵରରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଥିବାବେଳେ ବରପାଲିରେ ସର୍ବନିମ୍ନ ବର୍ଷା ରେକର୍ଡ ହୋଇଛି।
Tags: #WeatherUpdates #Rainfall #HeavyRainfall #RainfallWarning












