ଓଡ଼ିଶାଲାଇଭ୍ ବ୍ୟୁରୋ

କିଛି ଦିନ ହେଲା ପାଗ ଶୁଖିଲା ରହିବା ପରେ ଆଜିଠାରୁ ପୁଣି ଭିଜିବ ଓଡ଼ିଶା। ଆସନ୍ତା ଅଗଷ୍ଟ ୧୮ ତାରିଖରେ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଥିବାରୁ ବୁଧବାରଠାରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ଵର ଅଞ୍ଚଳିକ ପାଣିପାଗ କେନ୍ଦ୍ର।

ଉତ୍ତର-ପୂର୍ବ ତତ ସଂଲଗ୍ନ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳ ସମୁଦ୍ର ମଧ୍ୟରେ ବାୟୁମଣ୍ଡଳର ୪.୫ରୁ ୭.୬ କିଲୋମିଟର ଉଚ୍ଚତା ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ ଆସନ୍ତା ୧୮ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।

ଅଗଷ୍ଟ ୧୭ରୁ ୧୮ ତାରିଖ ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ଵର, ଯାଜପୁର, ଜଗତସିଂହପୁର, ଭଦ୍ରକ, କଟକ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ପୁରୀ, ନୟାଗଡ଼, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, ସୁନ୍ଦରଗଡ଼, କେନ୍ଦୁଝର, ସମ୍ବଲପୁର, ଦେବଗଡ଼, ସୋନପୁର, ଢେଙ୍କାନାଳ, ଅନୁଗୁଳ, ବଲାଙ୍ଗୀର, କନ୍ଧମାଳ ଏବଂ ବୌଦ୍ଧ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ସେହିପରି ଅଗଷ୍ଟ ୧୯ ତାରିଖରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ରାଜ୍ୟର ୧୭ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଢେଙ୍କାନାଳ, ଖୋର୍ଦ୍ଧା, ପୁରୀ, ବୌଦ୍ଧ ଏବଂ ଜଗତସିଂପୁର ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବା ନେଇ ଆକଳନ କରାଯାଇଥିବାବେଳେ ସମ୍ବଲପୁର, ସୋନପୁର, ଅନୁଗୁଳ, ଢେଙ୍କାନାଳ, ଭଦ୍ରକ, କଟକ, କେନ୍ଦ୍ରାପଡ଼ା, ନୟାଗଡ଼, ଗଞ୍ଜାମ, ବଲାଙ୍ଗୀର, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି।

Tags: #Weather #WeatherUpdate #RainfallWarning #HeavyRain #Odisha #YellowWarning

Comment