ଓଡ଼ିଶାଲାଇଭ୍ ବ୍ୟୁରୋ

ଉତ୍ତର ପୂର୍ବ ତତ୍ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳର ସମୁଦ୍ର ମଧ୍ୟରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସକ୍ରିୟ ହେବାକୁ ଲାଗିଛି। ଏହା ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ତୀବ୍ର ବୃଷ୍ଟିପାତ ଜାରି ରହିଛି। ଗୁରୁବାର ଦିନଠାରୁ ବର୍ଷାର ପରିମାଣ ବଢ଼ିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଘୂର୍ଣ୍ଣିବଳୟ ଆଜି ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସମୁଦ୍ର ପତ୍ତନଠାରୁ ବାୟୁମଣ୍ଡଳରେ ୭.୬ କିଲୋମିଟର ଉଚ୍ଚତା ଯାଏଁ ବ୍ୟାପିଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ବଙ୍ଗୋପସାଗରର ସମାନ ଅଞ୍ଚଳରେ ଆଗାମୀ ୧୨ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।

ବୁଧବାରଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ। କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସମ୍ବଲପୁର, ଅନୁଗୁଳ, କଟକ, ଖୋର୍ଦ୍ଧା ଏବଂ ପୁରୀ ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଢେଙ୍କାନାଳ, ଦେବଗଡ଼, ବରଗଡ଼, ସୋନପୁର, ବୌଦ୍ଧ, ନୟାଗଡ଼, ଗଞ୍ଜାମ, ଗଜପତି, ନବରଙ୍ଗପୁର, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଅଗଷ୍ଟ ୧୮ ତାରିଖରୁ ୧୯ ତାରିଖ ମଧ୍ୟରେ ବଲାଙ୍ଗୀର, କନ୍ଧମାଳ, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାକୁ ଅତିପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବାବେଳେ ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ, ନୟାଗଡ଼, କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି ଏବଂ ରାୟଗଡ଼ା ଜିଲ୍ଲାକୁ ପ୍ରବଳ ବର୍ଷା ହେବା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

ଏହା ସହିତ ଆସନ୍ତା ୨୦ ତାରିଖ ବରଗଡ଼, ନୂଆପଡ଼ା, ନବରଙ୍ଗପୁର, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

Tags: #Weather #WeatherUpdate #RainfallWarning #HeavyRain #Odisha #YellowWarning

Comment