ଓଡ଼ିଶାଲାଇଭ୍ ବ୍ୟୁରୋ

ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଆଗାମୀ ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ପାଣିପାଗ କେନ୍ଦ୍ରର ଆକଳନ ଅନୁସାରେ ସୋମବାର ଦିନ ରାଜ୍ୟର ସମସ୍ତ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଅଧିକାଂଶ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଆସନ୍ତା ୫ରୁ ୬ ତାରିଖ ମଧ୍ୟରେ ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, ନବରଙ୍ଗପୁର, କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରୁ ନବରଙ୍ଗପୁର, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରାଯାଇଛି।

ସେହିପରି ସେପ୍ଟେମ୍ବର ୬ରୁ ୭ ତାରିଖ ମଧ୍ୟରେ ଖୋର୍ଦ୍ଧା, ନୟାଗଡ଼, ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା, ମୟୂରଭଞ୍ଜ, କେନ୍ଦୁଝର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ନବରଙ୍ଗପୁର, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଆସନ୍ତା ୭ରୁ ୮ ତାରିଖ ମଧ୍ୟରେ ଖୋର୍ଦ୍ଧା, ନୟାଗଡ଼, ପୁରୀ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ, ଯାଜପୁର, ବାଲେଶ୍ଵର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ଦେବଗଡ଼, ସୋନପୁର, ନବରଙ୍ଗପୁର, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

Tags: #Weather #WeatherUpdates #HeavyRainfallWarning #Odisha

Comment