ଓଡ଼ିଶାଲାଇଭ୍ ବ୍ୟୁରୋ

ଓଡ଼ିଶା ହାଇକୋର୍ଟରେ ବିଚାରପତିଙ୍କ ସଂଖ୍ୟା ୨୨ରେ ପହଞ୍ଚିଲା

ଓଡ଼ିଶା ହାଇକୋର୍ଟର ଦୁଇ ନୂଆ ବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତି ଜଷ୍ଟିସ ଶିବଶଙ୍କର ମିଶ୍ର ଓ ଜଷ୍ଟିସ ଆନନ୍ଦ ଚନ୍ଦ୍ର ବେହେରା। ଉଭୟଙ୍କୁ ଶପଥପାଠ କରାଇଛନ୍ତି ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଶୁଭାଶିଷ ତଲାପାତ୍ର। ଦୁଇ ନୂଆ ବିଚାରପତିଙ୍କ ଶପଥ ଗ୍ରହଣ ପରେ ଓଡ଼ିଶା ହାଇକୋର୍ଟରେ ବିଚାରପତିଙ୍କ ସଂଖ୍ୟା ୨୨ରେ ପହଞ୍ଚିଛି।

୨୦୨୩ ଅଗଷ୍ଟ ୧୭ରେ ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଁ ବିଶିଷ୍ଟ ଆଇନଜୀବୀ ଶିବଶଙ୍କର ମିଶ୍ର ଓ ବରିଷ୍ଠ ବିଚାର ବିଭାଗୀୟ ଅଧିକାରୀ ଆନନ୍ଦ ଚନ୍ଦ୍ର ବେହେରାଙ୍କ ନାଁ ସୁପ୍ରିମକୋର୍ଟ କଲେଜିୟମ ସୁପାରିସ କରିଥିଲେ। ଉଭୟଙ୍କ ନିଯୁକ୍ତି ନେଇ କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା।ଜଷ୍ଟିସ ଶିବଶଙ୍କର ମିଶ୍ର ଜୟପୁରଠାରେ ୧୯୬୮ ମେ’ ୩ ତାରିଖରେ ଜନ୍ମଗ୍ରହଣ କରିଥିଲେ। ସ୍ୱର୍ଗତ ଅନଙ୍ଗଭୀମ ମିଶ୍ର ଓ ସ୍ୱର୍ଗତ ଶଶିରେଖା ମିଶ୍ରଙ୍କ ପୁଅ ଶିବଶଙ୍କର କୋରାପୁଟର ଜୟପୁର ଆଇନ ମହାବିଦ୍ୟାଳୟରୁ ଏଲଏଲବି ଡିଗ୍ରି ହାସଲ କରିଥିଲେ। ଦେୱାନୀ, ଫୌଜଦାରୀ ଓ ଚାକିରି ସମ୍ପର୍କିତ ଆଇନରେ ତାଙ୍କର ବିଶେଷ ଦକ୍ଷତା ରହିଛି। ସେ ଓଡ଼ିଶା ହାଇକୋର୍ଟ ଓ ‌କେନ୍ଦ୍ର ସରକାରଙ୍କ ପାଇଁ ସୁପ୍ରିମକୋର୍ଟରେ ଆଇନଜୀବୀ ଭାବେ ଦାୟିତ୍ୱ ନିର୍ବାହ କରୁଛନ୍ତି।ସେହିଭଳି ଜଷ୍ଟିସ ଆନନ୍ଦ ଚନ୍ଦ୍ର ବେହେରା ୧୯୬୪ ମେ’ ୨୩ରେ ଜନ୍ମଗ୍ରହଣ କରିଥିଲେ। ରାଜ୍ୟର ବିଭିନ୍ନ ସ୍ଥାନରେ ସେ ବରିଷ୍ଠ ବିଚାର ବିଭାଗୀୟ ଅଧିକାରୀ ଭାବେ କାର୍ଯ୍ୟ କରିଛନ୍ତି। ଜଷ୍ଟିସ ବେହେରା ରାଜ୍ୟ ଭିଜିଲାନ୍ସରେ ଲିଗାଲ ଆଡଭାଇଜର ଭାବେ କାର୍ଯ୍ୟରତ ଥିବାବେଳେ ସୁପ୍ରିମକୋର୍ଟ କଲେଜିୟମ ତାଙ୍କ ନାଁ ସୁପାରିସ କରିଥିଲେ।

Tags: #Odisha #Highcourt #Judge #OathTakingCeremony

Comment