ଓଡ଼ିଶାଲାଇଭ୍ ବ୍ୟୁରୋ 

ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ହେବେ ଜଷ୍ଟିସ୍‌ ଚକ୍ରଧାରୀ ଶରଣ ସିଂହ। ସୁପ୍ରିମକୋର୍ଟ କଲେଜିୟମ୍‌ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ହେବା ପାଇଁ ତାଙ୍କ ନାମ ସୁପାରିସ କରିଛନ୍ତି। ସେ ବର୍ତ୍ତମାନ ବିହାରର ପାଟନା ହାଇକୋର୍ଟର ବରିଷ୍ଠ ବିଚାରପତି ଅଛନ୍ତି।

ଓଡ଼ିଶା ହାଇକୋର୍ଟରେ ମୁଖ୍ୟ ବିଚାରପତି ଥିବା ଜଷ୍ଟିସ ଶୁଭାଶିଷ ତଲାପାତ୍ର ଗତ ଅକ୍ଟୋବର ୩ ତାରିଖରେ ଅବସର ନେଇଥିଲେ। ତାଙ୍କ ପରେ ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀ ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ ହୋଇଥିଲେ। ଏବେ ଏହି ଦାୟିତ୍ଵ ଗ୍ରହଣ କରିବେ ଜଷ୍ଟିସ୍‌ ଚକ୍ରଧାରୀ ଶରଣ ସିଂହ।

ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ଡି ୱାଇ ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଗଠିତ କଲେଜିୟମ୍ ଜଷ୍ଟିସ୍‌ ଚକ୍ରଧାରୀ ଶରଣ ସିଂହଙ୍କୁ ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ଦେବା ପାଇଁ ସୁପାରିଶ କରିଛନ୍ତି।

ଜଷ୍ଟିସ୍‌ ଚକ୍ରଧାରୀ ଶରଣ ସିଂହ ୧୯୬୩ ଜାନୁୟାରୀ ୨୦ ତାରିଖରେ ଜନ୍ମ ଗ୍ରହଣ କରିଥିଲେ। ସେ ଦିଲ୍ଲୀ ବିଶ୍ୱବିଦ୍ୟାଳୟରୁ ଏଲଏଲବି ଡିଗ୍ରୀ ହାସଲ କରିବାପରେ ପାଟନା ହାଇକୋର୍ଟରେ ଓକିଲାତି ଆରମ୍ଭ କରିଥିଲେ।

ସେ ବିହାର ସରକାରଙ୍କ ଅତିରିକ୍ତ ଆଡଭୋକେଟ୍ ଜେନେରାଲ ଭାବେ ୨୨ ବର୍ଷ ଧରି କାର୍ଯ୍ୟ କରିଛନ୍ତି। ଏହାପରେ ୨୦୧୨ ଏପ୍ରିଲ ୫ ତାରିଖରେ ଜଷ୍ଟିସ୍‌ ଚକ୍ରଧାରୀ ଶରଣ ସିଂହ ପାଟନା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତ ହୋଇଥିଲେ।

Tags: #JusticeChakradhariSharanSingh #ChiefJustice #OdishaHighcourt

Comment