ଓଡ଼ିଶାଲାଇଭ୍ ବ୍ୟୁରୋ

ଶ୍ରୀମନ୍ଦିର ରତ୍ନଭଣ୍ଡାର ତଦାରଖ ପାଇଁ ଗଠନ ହୋଇଛି ଉଚ୍ଚସ୍ତରୀୟ କମିଟି। ରତ୍ନଭଣ୍ଡାର ସୁରକ୍ଷା ମାମଲାରେ ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ରାଜ୍ୟ ସରକାର ଏହି କମିଟି ଗଠନ କରିଛନ୍ତି। ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଅରିଜିତ ପଶାୟତ କମିଟିର ଅଧ୍ୟକ୍ଷ ଭାବେ ନିଯୁକ୍ତ ହୋଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।

ଏହି କମିଟି ରତ୍ନଭଣ୍ଡାରରେ ଥିବା ମହାପ୍ରଭୁଙ୍କ ଅଳଙ୍କାର ଏବଂ ବିଭିନ୍ନ ମୂଲ୍ୟବାନ ବସ୍ତୁର ତାଲିକା ପ୍ରସ୍ତୁତି କାର୍ଯ୍ୟର ତଦାରଖ କରିବେ। ଏହି କମିଟିରେ ଅଧ୍ୟକ୍ଷଙ୍କ ସହିତ ୧୨ ଜଣ ସଦସ୍ୟ ଅଛନ୍ତି। ଦେଶର ପ୍ରସିଦ୍ଧ ହୃଦରୋଗ ବିଶେଷଜ୍ଞ ଡାକ୍ତର ରମାକାନ୍ତ ପଣ୍ଡା ଏହାର ଉପାଧ୍ୟକ୍ଷ ହୋଇଛନ୍ତି।

ଏହି କମିଟିରେ ଥିବା ଅନ୍ୟ ସଦସ୍ୟମାନେ ହେଲେ ଆଲ୍ଲାହାବାଦ ବ୍ୟାଙ୍କର ପୂର୍ବତନ ମୁଖ୍ୟ ପରିଚାଳନା ନିର୍ଦ୍ଦେଶକ ଡକ୍ଟର ବିଧୁଭୂଷଣ ସାମଲ, ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ଏ.କେ ସାବତ, ପୁରୀ ଗଜପତି ମହାରାଜା ତଥା ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟିର ଅଧ୍ୟକ୍ଷ ଦିବ୍ୟସିଂହ ଦେବଙ୍କ ପ୍ରତିନିଧି।

ସେହିପରି ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥାର ପ୍ରତିନିଧି, ସେବକ ପ୍ରତିନିଧି ଦୁର୍ଗାପ୍ରସାଦ ଦାସ ମହାପାତ୍ର, ମାଧବ ଚନ୍ଦ୍ର ମହାପାତ୍ର ଓ ଜଗନ୍ନାଥ କର ଏବଂ ଭଣ୍ଡାର ମେକାପ ସେବକ ଗଣେଶ ମେକାପ ଏହି କମିଟିରେ ସଦସ୍ୟ ରହିଛନ୍ତି।

ଅନ୍ୟପଟେ କମିଟିରେ ପୁରୀ ଜିଲ୍ଲାପାଳ ତଥା ଶ୍ରୀମନ୍ଦିରର ଉପମୁଖ୍ୟ ପ୍ରଶାସକ ସଦସ୍ୟ ରହିଥିବାବେଳେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଆବାହକ ଭାବରେ କାର୍ଯ୍ୟ କରିବେ।

Tags: #SriMandir #Ratnabhandar #HighlevelCommittee #GovtofOdisha #Puri

LEAVE A REPLY

Please enter your comment!
Please enter your name here