ଓଡ଼ିଶାଲାଇଭ୍ ବ୍ୟୁରୋ

(ବୌଦ୍ଧରୁ ଦେବବ୍ରତ ଦାଶ): ବୌଦ୍ଧ ଜିଲ୍ଲା କଣ୍ଟାମାଳ ଥାନା ପଢ଼େଲ ଡ୍ୟାମ୍ ନିକଟ ଜଙ୍ଗଲରେ ଗୁରୁବାର ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୨ ଜଣ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ଘଟଣାସ୍ଥଳରୁ ବିପୁଳ ପରିମାଣରେ ବିସ୍ଫୋରକ ସାମଗ୍ରୀ ଜବତ ହୋଇଥିବାବେଳେ ଏବେ ଜଙ୍ଗଲରେ ସର୍ଚ୍ଚ ଅପରେସନ ଜାରି ରହିଛି।

ପଢ଼େଲ ଡ୍ୟାମ୍ ନିକଟ ଜଙ୍ଗଲରେ ୪୦ରୁ ଅଧିକ ମାଓବାଦୀମାନେ ଏକ କ୍ୟାମ୍ପ କରି ରହିଥିବା ନେଇ ପୋଲିସକୁ ଗୁଇନ୍ଦା ବିଭାଗ ପକ୍ଷରୁ ସୂଚନା ମିଳିଥିଲା। ଯାହାକୁ ଆଧାର କରି ଓଡ଼ିଶା ପୋଲିସର ଏସଓଜି ବାହିନୀ ପକ୍ଷରୁ ଉକ୍ତ ଅଞ୍ଚଳରେ କୁମ୍ବିଂ ଅପରେସନ ଆରମ୍ଭ ହୋଇଥିଲା।

କୁମ୍ବିଂ ଅପରେସନବେଳେ ପୋଲିସ-ମାଓବାଦୀ ମୁହାଁମୁହିଁ ‌ହୋଇଥିଲେ। ପୋଲିସଙ୍କୁ ଦେଖି ମାଓବାଦୀମାନେ ପ୍ରଥମେ ଗୁଳିଚାଳନା କରିଥିଲେ। ପରେ ଏସଓଜି ଯବାନମାନେ ଏହାର ପାଲଟା ଜବାବ ଦେଇଥିଲେ। ଏଥିରେ ୨ ଜଣ ମାଓବାଦୀ ନିହତ ହୋଇଥିବାବେଳେ ଅନ୍ୟମାନେ ଖସି ପଳାଇଥିଲେ।

ପୋଲିସ ପକ୍ଷରୁ ନିହତ ହୋଇଥିବା ମାଓବାଦୀଙ୍କ ମୃତଦେହ ଠାବ କରାଯାଇଥିଲା। ଏହାସହ ମାଓ କ୍ୟାମ୍ପରୁ ବିପୁଳ ପରିମାଣରେ ବିସ୍ଫୋରକ ଓ ଅନ୍ୟାନ୍ୟ ସାମଗ୍ରୀ ଜବତ ହୋଇଛି।

ଅନ୍ୟପଟେ ଜଙ୍ଗଲରେ ଏବେ ମଧ୍ୟ କିଛି ମାଓବାଦୀ ଲୁଚି ରହିଥିବା ସନ୍ଦେହ କରାଯାଉଛି। ତେଣୁ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ ଜାରି ରହିଛି।

Tags: #Police-MaoistEncounter #OdishaPolice #SOG #Boudh #Odisha

LEAVE A REPLY

Please enter your comment!
Please enter your name here