ଓଡ଼ିଶାଲାଇଭ୍ ବ୍ୟୁରୋ
ମାଲକାନଗିରି ସୀମାନ୍ତ ଛତିଶଗଡ଼ର ନାରାୟଣପୁର ଜିଲ୍ଲା ଆବୁଜମାଡ଼ ଜଙ୍ଗଲରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୭ ଜଣ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ମୃତକଙ୍କ ମଧ୍ୟରେ ୨ ଜଣ ମହିଳା ମାଓବାଦୀ ସାମିଲ ଅଛନ୍ତି। ଘଟଣାସ୍ଥଳରୁ ବିପୁଳ ପରିମାଣରେ ବିସ୍ଫୋରକ ସାମଗ୍ରୀ ଜବତ ହୋଇଥିବାବେଳେ ଏବେ ଜଙ୍ଗଲରେ ସର୍ଚ୍ଚ ଅପରେସନ ଜାରି ରହିଛି।
ନାରାୟଣପୁରର ଆବୁଜମାଡ଼ ଜଙ୍ଗଲରେ ମାଓବାଦୀମାନେ ଏକ କ୍ୟାମ୍ପ କରି ରହିଥିବା ନେଇ ପୋଲିସକୁ ଗୁଇନ୍ଦା ବିଭାଗ ପକ୍ଷରୁ ସୂଚନା ମିଳିଥିଲା। ଯାହାକୁ ଆଧାର କରି ଛତିଶଗଡ଼ ପୋଲିସର ଏସଟିଏଫ ଓ ଡିଆରଜି ବାହିନୀ ପକ୍ଷରୁ ଉକ୍ତ ଅଞ୍ଚଳରେ କୁମ୍ବିଂ ଅପରେସନ ଆରମ୍ଭ ହୋଇଥିଲା।
କୁମ୍ବିଂ ଅପରେସନବେଳେ ପୋଲିସ-ମାଓବାଦୀ ମୁହାଁମୁହିଁ ହୋଇଥିଲେ। ପୋଲିସଙ୍କୁ ଦେଖି ମାଓବାଦୀମାନେ ପ୍ରଥମେ ଗୁଳିଚାଳନା କରିଥିଲେ। ପରେ ପୋଲିସକର୍ମୀ ଏହାର ପାଲଟା ଜବାବ ଦେଇଥିଲେ। ଏଥିରେ ୭ ଜଣ ମାଓବାଦୀ ନିହତ ହୋଇଥିବାବେଳେ ଅନ୍ୟମାନେ ଖସି ପଳାଇଥିଲେ।
ପୋଲିସ ପକ୍ଷରୁ ନିହତ ହୋଇଥିବା ମାଓବାଦୀଙ୍କ ମୃତଦେହ ଠାବ କରାଯାଇଛି। ଏହାସହ ମାଓ କ୍ୟାମ୍ପରୁ ବିପୁଳ ବିପୁଳ ପରିମାଣରେ ବିସ୍ଫୋରକ ଓ ଅନ୍ୟାନ୍ୟ ସାମଗ୍ରୀ ଜବତ ହୋଇଛି। ଏବେ ସମଗ୍ର ଅଞ୍ଚଳକୁ ସିଲ କରାଯାଇ ସର୍ଚ୍ଚ ଅପରେସନ ଜାରି ରଖାଯାଇଛି।
Tags: #Police-MaoistEncounter #Maoists #Narayanpur #Chhattisgarh