ଓଡ଼ିଶାଲାଇଭ୍ ବ୍ୟୁରୋ

ଓଡ଼ିଶାରେ ଆଇଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ ହୋଇଛି। ରାଜ୍ଯର ୯ ଜଣ ବରିଷ୍ଠ ପ୍ରଶାସନିକ ଅଧିକାରୀଙ୍କୁ ନୂଆ ଦାୟିତ୍ଵ ଦେଇଛନ୍ତି ରାଜ୍ଯ ସରକାର। ଏନେଇ ବୁଧବାର ରାଜ୍ଯ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁସାରେ ମୁଖ୍ୟମନ୍ତ୍ରୀଙ୍କ ସ୍ଵତନ୍ତ୍ର ସଚିବ ଏବଂ କ୍ରୀଡ଼ା ଓ ଯୁବସେବା ବିଭାଗର କମିସନର ତଥା ସଚିବ ଥିବା ଆର୍ ଭିନିଲକ୍ରିଷ୍ଣାଙ୍କ ବଦଳି ହୋଇଛି। ତାଙ୍କୁ ଭୂମି ଅଭିଲେଖ ଓ ବ‌ନ୍ଦୋବସ୍ତ କମିସନର ଭାବେ ନିଯୁକ୍ତି ମିଳିଛି।

ସେହିପରି ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ଥିବା ବିଶାଲ କୁମାର ଦେବଙ୍କୁ ଇଲେକ୍ଟ୍ରୋନିକ୍ସ ଓ ଆଇଟି ବିଭାଗର ପ୍ରମୁଖ ଶାସନ ସଚିବ ଭାବେ ନିଯୁକ୍ତି ଦିଆଯାଇଛି। ଭାସ୍କର ଜ୍ୟୋତି ଶର୍ମା କ୍ରୀଡ଼ା ଓ ଯୁବସେବା ବିଭାଗର କମିସନର ତଥା ସଚିବ ହୋଇଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଥିବା ୧୯୯୩ ବ୍ୟାଚ୍‌ର ଆଇଏଏସ୍‌ ଅଧିକାରୀ ନିକୁଞ୍ଜ ବିହାରୀ ଧଳଙ୍କୁ ଇଡକୋର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ବ ମିଳିଛି। ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ଥିବା ୧୯୯୩ ବ୍ୟାଚର ଆଇଏଏସ୍‌ ଅଧିକାରୀ ସୁରେନ୍ଦ୍ର କୁମାରଙ୍କୁ ସଂସଦୀୟ ବ୍ୟାପାର ବିଭାଗର ସଚିବ ଭାବେ ଅତିରିକ୍ତ ଦାୟିତ୍ବ ମିଳିଛି।

ସେହିପରି ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ଅତିରିକ୍ତ ସଚିବ ଥିବା ଜି ମାଥିଭାତନନଙ୍କୁ ଗୋପବନ୍ଧୁ ପ୍ରଶାସନିକ ଏକାଡେମୀର ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଛି। ଏହାସହ ଶିଳ୍ପ ବିଭାଗର ପ୍ରମୁଖ ଶାସନ ସଚିବ ହେମନ୍ତ ଶର୍ମାଙ୍କୁ ଏମଏସଏମଇ ବିଭାଗର ପ୍ରମୁଖ ଶାସନ ସଚିବ ଭାବେ ଅତିରିକ୍ତ ଦାୟିତ୍ଵ ମିଳିଛି।

ଓଏସଏସଏସସିର ଅଧ୍ୟକ୍ଷ ଶାଶ୍ୱତ ମିଶ୍ରଙ୍କୁ ଅର୍ଥ ଓ ଶକ୍ତି ବିଭାଗରେ ପ୍ରମୁଖ ଶାସନ ସଚିବ ଭାବେ ଅତିରିକ୍ତ ଦାୟିତ୍ଵ ଦିଆଯାଇଛି। ରାଜ୍ଯ ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ସଚିବ ସଚିବ ଥିବା ଉଷା ପାଢ଼ୀଙ୍କୁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଭାବେ ଅତିରିକ୍ତ ଦାୟିତ୍ଵ ମିଳିଛି।

Tags: #IASReshuffle #IASOfficers #secretariet #Odisha

Comment