ଓଡ଼ିଶାଲାଇଭ୍ ବ୍ୟୁରୋ

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଓଡ଼ିଶାରେ ବର୍ଷା ଜାରି ରହିଛି। ଘୂର୍ଣ୍ଣିବଳୟଟି ଘନୀଭୂତ ହୋଇ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଆସନ୍ତା ୪ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି। ଏଥିପାଇଁ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ସୋମବାର ବର୍ଷା ପାଇଁ ଓଡ଼ିଶାର ୨୮ଟି ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସୋନପୁର ଓ ବୌଦ୍ଧ ଜିଲ୍ଲାକୁ ଛାଡ଼ି ବାକି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କିଛି ସ୍ଥାନରେ ବର୍ଷା ସହ ବିଜୁଳି ଘଡ଼ଘଡ଼ି ହେବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
ସେହିପରି ମଙ୍ଗଳବାର ଦିନ ବର୍ଷା ପାଇଁ ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, ରାୟଗଡ଼ା ଏବଂ କୋରାପୁଟ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ଯାଏଁ ବର୍ଷା ହେବାର ସମ୍ଭାବନା ରହିଛି।
ଅନ୍ୟପଟେ ବଙ୍ଗୋପସାଗରରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟଟି ଜୁଲାଇ ୧୬ ତାରିଖ ସୁଦ୍ଧା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ପରେ ୧୯ ତାରିଖରେ ବେଳକୁ ଏହା ଗଭୀର ଅବପାତରେ ପରିଣତ ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।
ଏବେ ଓଡ଼ିଶାରେ ମୌସୁମୀ ସକ୍ରିୟ ରହିଥିବାବେଳେ ଲଘୁଚାପର ପ୍ରଭାବ ରାଜ୍ୟରେ ଅଧିକ ରହିବାର ସମ୍ଭାବନା ରହିଛି। ଫଳରେ ଉପକୂଳ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।
Tags: #Weather #Monsoon #Rainfall #MCBBSR #Odisha

















