ଓଡ଼ିଶାଲାଇଭ୍ ବ୍ୟୁରୋ

ବାହୁଡ଼ା ଯାତ୍ରାର ସବୁଠାରୁ ଅନନ୍ୟ ପରମ୍ପରା ହେଉଛି ଲକ୍ଷ୍ମୀ ନାରାୟଣ ଭେଟ। ଏହି ଭେଟ ସ୍ୱୟଂ ଗଜପତି ମହାରାଜା ଦିବ୍ୟ ସିଂହ ଦେବ କରାଇଥା’ନ୍ତି। ଜଗନ୍ନାଥ ମହାପ୍ରଭୁଙ୍କ ରଥ ମରିଚିକୋଟ ନିକଟସ୍ଥ ଶ୍ରୀନଅରଠାରେ ପହଞ୍ଚିବା ପରେ ଲକ୍ଷ୍ମୀ ନାରାୟଣ ଭେଟ ନୀତି ହୋଇଥାଏ।

ମହାଜନ ସେବକମାନେ ଲକ୍ଷ୍ମୀ ଠାକୁରାଣୀଙ୍କୁ ପାଟବସ୍ତ୍ର, ମାଳଫୁଲ, ଅଳଙ୍କାରରେ ବେଶ କରାଇ ସାତ ପାହଚ ଦ୍ଵାରଠାରେ ଥିବା ପାଲିଙ୍କିରେ ବିଜେ କରାନ୍ତି। ପାଲିଙ୍କି ଆନନ୍ଦବଜାରସ୍ଥିତ ଚାହାଣୀ ମଣ୍ଡପକୁ ନିଆଯାଏ।

ଚାହାଣୀ ମଣ୍ଡପରେ ଲକ୍ଷ୍ମୀ ବିଜେ ହୋଇବା ପରେ ଉକ୍ତ ପାଲିଙ୍କି ନନ୍ଦିଘୋଷ ରଥରେ ବିରାଜମାନ କରିଥିବା ଜଗନ୍ନାଥଙ୍କ ରଥ ନିକଟରେ ପହଞ୍ଚନ୍ତି। ପରମ୍ପରା ଅନୁଯାୟୀ ସେହି ସମୟରେ ବଳଭଦ୍ରଙ୍କ ରଥ ସମ୍ମୁଖରେ ରଥ ଘେର ପକାଯାଇଥାଏ। ଶ୍ରୀନଅର ସିଂହଦ୍ଵାରରେ ଗଜପତି ମହାରାଜା ଉପସ୍ଥିତ ହୋଇଥାନ୍ତି।

ଦହିପଟି ମଣୋହି ପରେ ଗଜପତିଙ୍କ ହସ୍ତରେ ଲକ୍ଷ୍ମୀ ଦେବୀ ବିଜେ ହୋଇ ଜଗନ୍ନାଥଙ୍କ ସହିତ ଭେଟ ହୁଅନ୍ତି। ତତ୍ପରେ ରଥ ପ୍ରଦକ୍ଷିଣ ଓ ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଲକ୍ଷ୍ମୀ ଠାକୁରାଣୀ ଶ୍ରୀମନ୍ଦିରକୁ ବାହୁଡା ବିଜେ କରିବା ସଙ୍ଗେ ସଙ୍ଗେ ଶ୍ରୀନଅରଠାରୁ ନନ୍ଦିଘୋଷ ଟଣା ଯାଇ ସିଂହଦ୍ଵାରଠାରେ ରଖାଯାଇଥାଏ। ଏହି ନୀତିରେ ଭିତରଚ୍ଛ, ପତି ମହାପାତ୍ର, ଗରାବଡୁ, ବିମାନବଡୁ, ମହାଜନ, ବଜନ୍ତରୀ ପ୍ରମୁଖ ସେବକମାନେ ଉପସ୍ଥିତ ରହିଥାନ୍ତି।

Tags: #BahudaJatra #Puri #Jagannath #CarFestival #ଜଗନ୍ନାଥ #ରଥଯାତ୍ରା #ଶ୍ରୀକ୍ଷେତ୍ର

LEAVE A REPLY

Please enter your comment!
Please enter your name here